ଇଲୀଶାୟ ଏବଂ ଶୁନେମୀୟା ସ୍ତ୍ରୀ
8 ଏଥିଉତ୍ତାରେ ଦିନକରେ ଇଲୀଶାୟ ଶୂନେମ ନଗରକୁ ଗଲେ, ସେଠାରେ ଏକ ଧନବତୀ ସ୍ତ୍ରୀ ଥିଲା; ଆଉ ସେ ଇଲୀଶାୟଙ୍କୁ ଅନ୍ନ ଭୋଜନ ନିମନ୍ତେ ପ୍ରବର୍ତ୍ତାଇଲା। ଏଥିଉତ୍ତାରେ ଇଲୀଶାୟ ଯେତେ ଥର ସେହି ପଥ ଦେଇ ଗଲେ, ସେତେଥର ଅନ୍ନ ଭୋଜନ ନିମନ୍ତେ ସେଠାକୁ ଗଲେ। 9 ଏଥିଉତ୍ତାରେ ସେହି ସ୍ତ୍ରୀ ଆପଣା ସ୍ୱାମୀକୁ କହିଲା, "ଦେଖ, ମୁଁ ଜାଣି ପାରୁଅଛି, ଏହି ଯେଉଁ ଲୋକ ନିତ୍ୟ ଆମ୍ଭମାନଙ୍କ ନିକଟ ଦେଇ ଗତାୟାତ କରୁଅଛନ୍ତି, ସେ ପରମେଶ୍ୱରଙ୍କର ଏକ ପବିତ୍ର ଲୋକ ଅଟନ୍ତି। 10 ମୁଁ ବିନୟ କରୁଅଛି, ଆମ୍ଭେମାନେ ପ୍ରାଚୀର ଉପରେ ଗୋଟିଏ ସାନ କୋଠରି ନିର୍ମାଣ କରୁ ଓ ତହିଁରେ ତାଙ୍କ ପାଇଁ ଗୋଟିଏ ଖଟ, ମେଜ, ଆସନ ଓ ଦୀପରୁଖା ରଖୁ; ତହୁଁ ସେ ଆମ୍ଭମାନଙ୍କ ନିକଟକୁ ଆସିବା ବେଳେ ସେଠାରେ ରହିବେ।"
11 ଦିନକରେ ଇଲୀଶାୟ ସେଠାକୁ ଆସିଲେ, ଆଉ ସେହି କୋଠରିକୁ ଯାଇ ଶୟନ କଲେ। 12 ପୁଣି ସେ ଆପଣା ଦାସ ଗିହେଜୀକୁ କହିଲେ, "ଏହି ଶୁନେମୀୟା ସ୍ତ୍ରୀକୁ ଡାକ।" ତହୁଁ ସେ ତାହାକୁ ଡାକନ୍ତେ, ସେ ସ୍ତ୍ରୀ ତାଙ୍କ ସମ୍ମୁଖରେ ଠିଆ ହେଲା। 13 ଏଥିରେ ଇଲୀଶାୟ ଗିହେଜୀକୁ କହିଲେ, "ତାଙ୍କୁ କୁହ, ଦେଖ, ତୁମ୍ଭେ ଏସମସ୍ତ ଚିନ୍ତାରେ ଆମ୍ଭମାନଙ୍କ ନିମନ୍ତେ ଚିନ୍ତିତ ହୋଇଅଛ; ମୁଁ ତୁମ୍ଭ ନିମନ୍ତେ କʼଣ କରି ପାରିବି? ମୋତେ ତୁମ୍ଭ ସପକ୍ଷରେ ରାଜା କିମ୍ବା ସେନାପତିଙ୍କ ନିକଟରେ କିଛି କହିବାକୁ ଇଚ୍ଛା କରୁଅଛ କି?" ତହୁଁ ସେ ଉତ୍ତର କଲା, "ମୁଁ ନିଜ ଲୋକଙ୍କ ମଧ୍ୟରେ ବାସ କରୁଅଛି।" 14 ପୁଣି ଇଲୀଶାୟ କହିଲେ, "ତେବେ ତାହା ପାଇଁ କʼଣ କରାଯିବ?" ତହିଁରେ ଗିହେଜୀ ଉତ୍ତର କଲା, "ତାହାର ପୁତ୍ର ନାହିଁ ଓ ତାହାର ସ୍ୱାମୀ ବୃଦ୍ଧ।" 15 ତେବେ ଇଲୀଶାୟ କହିଲେ, "ତାଙ୍କୁ ଡାକ।" ଏଣୁ ସେ ତାଙ୍କୁ ଡାକନ୍ତେ, ସେ ଦ୍ୱାରରେ ଠିଆ ହେଲା। 16 ତହୁଁ ଇଲୀଶାୟ କହିଲେ, "ଏହି ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ତୁମ୍ଭେ ପୁତ୍ରକୁ କୋଳ କରିବ।" ଏଥିରେ ସେ ସ୍ତ୍ରୀ କହିଲା, "ନା, ହେ ମୋର ପ୍ରଭୋ, ହେ ପରମେଶ୍ୱରଙ୍କ ଲୋକ, ଆପଣା ଦାସୀକୁ ଆପଣ ମିଥ୍ୟା ନ କହନ୍ତୁ।" 17 ଏଥିଉତ୍ତାରେ ଇଲୀଶାୟଙ୍କର ବାକ୍ୟାନୁସାରେ ସେହି ସ୍ତ୍ରୀ ଗର୍ଭଧାରଣ କରି ଉକ୍ତ ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ଏକ ପୁତ୍ର ପ୍ରସବ କଲା।
18 ପୁଣି ବାଳକ ବଢ଼ିଲା ଉତ୍ତାରେ ଦିନକରେ ସେ ଶସ୍ୟଚ୍ଛେଦକମାନଙ୍କ ନିକଟରେ ଆପଣା ପିତା ନିକଟକୁ ଗଲା। 19 ଆଉ ସେ ଆପଣା ପିତାଙ୍କୁ କହିଲା, "ମୋʼ ମସ୍ତକ, ମୋʼ ମସ୍ତକ।" ତହୁଁ ପିତା ଆପଣା ଦାସକୁ କହିଲା, "ତାହାର ମାତା ନିକଟକୁ ତାହାକୁ ଉଠାଇ ନେଇଯାଅ।" 20 ଆଉ ସେ ତାହାକୁ ଉଠାଇ ନେଇ ତାହାର ମାତା ନିକଟକୁ ଆଣନ୍ତେ, ବାଳକ ମଧ୍ୟାହ୍ନ ପର୍ଯ୍ୟନ୍ତ ତାହାର କୋଳରେ ବସି ମରିଗଲା। 21 ଏଥିରେ ମାତା ଉପରକୁ ଯାଇ ପରମେଶ୍ୱରଙ୍କ ଲୋକଙ୍କ ଖଟରେ ତାହାକୁ ଶୁଆଇ ଦ୍ୱାର ବନ୍ଦ କରି ବାହାରି ଆସିଲା। 22 ପୁଣି ସେ ଆପଣା ସ୍ୱାମୀକୁ ଡାକି କହିଲା, "ମୁଁ ବିନୟ କରୁଅଛି, ଦାସମାନଙ୍କ ମଧ୍ୟରୁ ଜଣକୁ ଓ ଗର୍ଦ୍ଦଭୀରୁ ଗୋଟିଏ ମୋʼ ନିକଟକୁ ପଠାଇଦିଅ, ମୁଁ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଦୌଡ଼ିଯାଇ ଫେରି ଆସିବି।" 23 ତହିଁରେ ତାହାର ସ୍ୱାମୀ କହିଲା, "ତୁମ୍ଭେ କାହିଁକି ତାଙ୍କ ନିକଟକୁ ଆଜି ଯିବ? ଏ ତ ଅମାବାସ୍ୟା ନୁହେଁ କି ବିଶ୍ରାମବାର ନୁହେଁ।" ଏଥିରେ ସେ କହିଲା, "ଭଲ ହେବ।" 24 ତହୁଁ ସେ ଗର୍ଦ୍ଦଭୀ ସଜାଇ ଆପଣା ଦାସକୁ କହିଲା, "ଅଡ଼ାଇ ଚାଲ; ମୋʼ ଆଜ୍ଞା ବିନା ଚଲାଇବାରେ ଢିଲା କର ନାହିଁ।" 25 ଏହିରୂପେ ସେ ଯାଇ କର୍ମିଲ ପର୍ବତରେ ପରମେଶ୍ୱରଙ୍କ ଲୋକଙ୍କ ନିକଟରେ ପହଞ୍ଚିଲା।
ତହିଁରେ ପରମେଶ୍ୱରଙ୍କ ଲୋକ ଦୂରରୁ ତାହାକୁ ଦେଖି ଆପଣା ଦାସ ଗିହେଜୀକୁ କହିଲେ, "ଦେଖ, ସେଠାରେ ଶୁନେମୀୟା ସ୍ତ୍ରୀ; 26 ମୁଁ ବିନୟ କରୁଅଛି, ଦୌଡ଼ିଯାଇ ତାହାକୁ ସାକ୍ଷାତ କରି ପଚାର, ତୁମ୍ଭର ସମସ୍ତ ବିଷୟ ମଙ୍ଗଳ ତ? ତୁମ୍ଭ ସ୍ୱାମୀର ମଙ୍ଗଳ ତ? ବାଳକର ମଙ୍ଗଳ ତ?" ତହୁଁ ସେ ଉତ୍ତର କଲା, "ମଙ୍ଗଳ।" 27 ଏଥିଉତ୍ତାରେ ସେ ପର୍ବତରେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଆସି ତାଙ୍କ ଚରଣ ଧରି ରହିଲା। ତହିଁରେ ଗିହେଜୀ ତାହାକୁ ଛଡ଼ାଇ ଦେବା ପାଇଁ ନିକଟକୁ ଆସିଲା; ମାତ୍ର ପରମେଶ୍ୱରଙ୍କ ଲୋକ କହିଲେ, "ତାହାକୁ ଛାଡ଼ିଦିଅ; କାରଣ ତାହାର ଅନ୍ତରରେ ତାହାର ପ୍ରାଣ ଶୋକାକୁଳ ହୋଇଅଛି; ମାତ୍ର ସଦାପ୍ରଭୁ ମୋʼ ଠାରୁ ତାହା ଗୋପନରେ ରଖିଅଛନ୍ତି, ପୁଣି ତାହା ମୋତେ ଜଣାଇ ନାହାନ୍ତି।" 28 ଏଥିରେ ସେ ସ୍ତ୍ରୀ କହିଲା, "ମୋʼ ପ୍ରଭୁଙ୍କୁ ମୁଁ କʼଣ ପୁତ୍ର ମାଗିଥିଲି? ମୁଁ କି କହି ନ ଥିଲି, ମୋତେ ପ୍ରତାରଣା ନ କର?" 29 ତହୁଁ ଇଲୀଶାୟ ଗିହେଜୀକୁ କହିଲେ, "ଆପଣା ଅଣ୍ଟା ବାନ୍ଧ ଓ ଆପଣା ହସ୍ତରେ ମୋହର ଯଷ୍ଟି ନେଇ ଆପଣା ବାଟେ ଚାଲିଯାଅ; ଯଦି ତୁମ୍ଭେ କୌଣସି ଲୋକକୁ ସାକ୍ଷାତ କର, ତାହାକୁ ନମସ୍କାର କର ନାହିଁ; ଆଉ ଯଦି କେହି ତୁମ୍ଭକୁ ନମସ୍କାର କରନ୍ତି, ତାହାକୁ ଫେରି ଉତ୍ତର ଦିଅ ନାହିଁ; ପୁଣି ମୋʼ ଯଷ୍ଟି ସେହି ବାଳକର ମୁଖ ଉପରେ ରଖ।" 30 ଏଥିରେ ବାଳକର ମାତା କହିଲା, "ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।" ତେଣୁ ଇଲୀଶାୟ ଉଠି ତାହାର ପଛେ ପଛେ ଗଲେ। 31 ଏଥିମଧ୍ୟରେ ଗିହେଜୀ ସେମାନଙ୍କ ଆଗେ ଯାଇ ବାଳକର ମୁଖ ଉପରେ ଯଷ୍ଟି ରଖିଲା; ମାତ୍ର କୌଣସି ରବ କି ଶ୍ରବଣ ହେଲା ନାହିଁ। ଏହେତୁ ଗିହେଜୀ ଇଲୀଶାୟଙ୍କୁ ସାକ୍ଷାତ କରିବା ପାଇଁ ଫେରିଆସି ତାଙ୍କୁ ଜଣାଇ କହିଲା, "ବାଳକ ଜାଗି ନାହିଁ।"
32 ତହୁଁ ଇଲୀଶାୟ ସେ ଗୃହକୁ ଆସନ୍ତେ, ଦେଖ, ବାଳକ ମରି ତାଙ୍କର ଶଯ୍ୟାରେ ଶୋଇଅଛି। 33 ଏହେତୁ ସେ ଭିତରକୁ ଯାଇ ନିଜେ ଓ ବାଳକ ଉଭୟେ ରହି ଦ୍ୱାର ବନ୍ଦ କରି ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ। 34 ଆଉ ସେ ଉପରକୁ ଯାଇ ବାଳକ ଉପରେ ଶୟନ କଲେ ଓ ତାହା ମୁଖ ଉପରେ ଆପଣା ମୁଖ ଓ ତାହା ଚକ୍ଷୁ ଉପରେ ଆପଣା ଚକ୍ଷୁ ଓ ତାହା ହସ୍ତ ଉପରେ ଆପଣା ହସ୍ତ ରଖିଲେ; ଏରୂପେ ସେ ଆପଣାକୁ ବାଳକ ଉପରେ ଲମ୍ବମାନ କଲେ; ତହିଁରେ ବାଳକର ଶରୀର ଉଷ୍ଣ ହେବାକୁ ଲାଗିଲା। 35 ଏଥିରେ ଇଲୀଶାୟ ଫେରି ଗୃହ ମଧ୍ୟରେ ଏଣେତେଣେ ଥରେ ବୁଲିଲେ; ତହୁଁ ଉପରକୁ ଯାଇ ବାଳକ ଉପରେ ଆପଣାକୁ ଲମ୍ବମାନ କଲେ; ତହିଁରେ ବାଳକ ସାତ ଥର ଛିଙ୍କିଲା ଓ ବାଳକ ଚକ୍ଷୁ ଫିଟାଇଲା। 36 ଏଥିରେ ସେ ଗିହେଜୀକୁ ଡାକି କହିଲେ, "ସେହି ଶୁନେମୀୟା ସ୍ତ୍ରୀକୁ ଡାକ।" ତହୁଁ ସେ ତାହାକୁ ଡାକିଲା। ଆଉ ସେ ତାଙ୍କ ନିକଟକୁ ଆସନ୍ତେ, ସେ କହିଲେ, "ତୁମ୍ଭ ପୁତ୍ରକୁ ନିଅ।" 37 ସେତେବେଳେ ସେ ସ୍ତ୍ରୀ ଭିତରକୁ ଯାଇ ତାଙ୍କର ଚରଣରେ ଭୂମିଷ୍ଠ ପ୍ରଣାମ କଲା ଓ ଆପଣା ପୁତ୍ରକୁ ନେଇ ବାହାରକୁ ଗଲା।