Publicidade

Amós 4

1 "ହେ ଶମରୀୟାର ପର୍ବତବାସିନୀ ବାଶନର ଗାଭୀସବୁ,

ତୁମ୍ଭେମାନେ ଏହି ବାକ୍ୟ ଶୁଣ,

ତୁମ୍ଭେମାନେ ଦରିଦ୍ରଗଣ ପ୍ରତି ଉପଦ୍ରବ କରୁଅଛ,

ଦୀନହୀନମାନଙ୍କୁ ଦଳି ପକାଉଅଛ,

ତୁମ୍ଭେମାନେ ଆପଣା ଆପଣା କର୍ତ୍ତାକୁ କହୁଅଛ,

‘ଆଣ, ଆମ୍ଭେମାନେ ପାନ କରିବା।’

2 ପ୍ରଭୁ ସଦାପ୍ରଭୁ ଆପଣା ପବିତ୍ରତାରେ ଶପଥ କରି କହିଅଛନ୍ତି,

ଦେଖ, ଯେଉଁ ସମୟରେ ଲୋକମାନେ ତୁମ୍ଭମାନଙ୍କୁ ତେଣ୍ଟାରେ

ଓ ତୁମ୍ଭମାନଙ୍କର ଅବଶିଷ୍ଟାଂଶକୁ ବନଶୀ କଣ୍ଟାରେ ଟାଣି ନେବେ,

ଏପରି ସମୟ ତୁମ୍ଭମାନଙ୍କ ଉପରେ ଆସିବ।

3 ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ

ଆପଣା ଆପଣା ସମ୍ମୁଖସ୍ଥ ଭଗ୍ନ ସ୍ଥାନ ଦେଇ ବାହାରି ଯିବ

ଓ ହର୍ମ୍ମୋଣରେ ଆପଣାମାନଙ୍କୁ ନିକ୍ଷେପ କରିବ।"

ଏହା ସଦାପ୍ରଭୁ କହନ୍ତି।

4 "ତୁମ୍ଭେମାନେ ବେଥେଲ୍‍କୁ ଯାଇ ଅପରାଧ କର;

ଗିଲ୍‍ଗଲ୍‍କୁ ଯାଇ ଅପରାଧ ବୃଦ୍ଧି କର;

ଆଉ, ପ୍ରତି ପ୍ରଭାତରେ ଆପଣା ଆପଣା ବଳି

ଓ ପ୍ରତି ତିନି ଦିନରେ ଆପଣା ଆପଣାର ଦଶମାଂଶ ଉତ୍ସର୍ଗ କର;

5 ପୁଣି, ପ୍ରଶଂସାର୍ଥକ ବଳି ନିମନ୍ତେ ତାଡ଼ି ମିଶ୍ରିତ ଦ୍ରବ୍ୟ ଉତ୍ସର୍ଗ କର

ଓ ସ୍ଵେଚ୍ଛାଦତ୍ତ ଉପହାର ବିଷୟ ଘୋଷଣା କରି ପ୍ରକାଶ କର;

କାରଣ, ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଏପରି କରିବାକୁ ଭଲ ପାଅ।"

ଏହା ପ୍ରଭୁ ସଦାପ୍ରଭୁ କହନ୍ତି।

ଶିକ୍ଷା ଗ୍ରହଣ କରିବାକୁ ଇସ୍ରାଏଲ ଅସମର୍ଥ

6 "ଆଉ, ଆମ୍ଭେ ତୁମ୍ଭମାନଙ୍କର ସମୁଦାୟ ନଗରରେ ଦନ୍ତ ପଂକ୍ତିର ନିର୍ମଳତା

ଓ ତୁମ୍ଭମାନଙ୍କର ସମୁଦାୟ ବାସ ସ୍ଥାନରେ ଅନ୍ନ-ଅଭାବ ତୁମ୍ଭମାନଙ୍କୁ ଦେଇଅଛୁ;

ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।"

ଏହା ସଦାପ୍ରଭୁ କହନ୍ତି।

7 "ଆହୁରି, ଶସ୍ୟ ପାଚିବାର ତିନି ମାସ ପୂର୍ବେ

ଆମ୍ଭେ ତୁମ୍ଭମାନଙ୍କଠାରୁ ବୃଷ୍ଟି ନିବାରଣ କରିଅଛୁ;

ପୁଣି, ଏକ ନଗରରେ ଜଳ ବର୍ଷାଇ ଅଛୁ

ଓ ଅନ୍ୟ ନଗରରେ ଜଳ ବର୍ଷାଇ ନାହୁଁ;

ଏକ କ୍ଷେତ୍ରରେ ବୃଷ୍ଟି ହେଲା

ଓ ଯେଉଁ କ୍ଷେତ୍ରରେ ବୃଷ୍ଟି ହେଲା ନାହିଁ, ତାହା ଶୁଷ୍କ ହେଲା।

8 ତହିଁ ସକାଶୁ ଦୁଇ, ତିନି ନଗରସ୍ଥ ଲୋକମାନେ ଜଳ ପାନ କରିବା ନିମନ୍ତେ ବୁଲି ବୁଲି ଅନ୍ୟ ଏକ ନଗରକୁ ଗଲେ,

ମାତ୍ର ତୃପ୍ତ ହେଲେ ନାହିଁ;

ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।"

ଏହା ସଦାପ୍ରଭୁ କହନ୍ତି।

9 "ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଦ୍ୱାରା ତୁମ୍ଭମାନଙ୍କୁ ଆଘାତ କରିଅଛୁ;

ଶୂକ କୀଟ ତୁମ୍ଭମାନଙ୍କର ବହୁସଂଖ୍ୟକ ଉଦ୍ୟାନ,

ଦ୍ରାକ୍ଷାକ୍ଷେତ୍ର, ଡିମ୍ବିରିବୃକ୍ଷ ଓ ଜୀତବୃକ୍ଷ ଗ୍ରାସ କରିଅଛି;

ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।"

ଏହା ସଦାପ୍ରଭୁ କହନ୍ତି।

10 "ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରୁ ମିସର ଦେଶର ମହାମାରୀ ତୁଲ୍ୟ ମହାମାରୀ ପଠାଇଅଛୁ;

ତୁମ୍ଭମାନଙ୍କର ଯୁବାଗଣକୁ ଆମ୍ଭେ ଖଡ୍ଗରେ ସଂହାର କରିଅଛୁ

ଓ ତୁମ୍ଭମାନଙ୍କର ଅଶ୍ୱଗଣକୁ ନେଇ ଯାଇଅଛୁ;

ପୁଣି, ଆମ୍ଭେ ତୁମ୍ଭମାନଙ୍କର ଛାଉଣି ସ୍ଥାନର ଦୁର୍ଗନ୍ଧ

ତୁମ୍ଭମାନଙ୍କର ନାସିକା ପର୍ଯ୍ୟନ୍ତ ହିଁ ପ୍ରବେଶ କରାଇଅଛୁ;

ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।"

ଏହା ସଦାପ୍ରଭୁ କହନ୍ତି।

11 "ପରମେଶ୍ୱର ସଦୋମ ଓ ହମୋରାକୁ ଯେପରି ଉତ୍ପାଟନ କରିଥିଲେ,

ସେପରି ଆମ୍ଭେ ତୁମ୍ଭମାନଙ୍କର କେତେକ (ସ୍ଥାନ) ଉତ୍ପାଟନ କରିଅଛୁ,

ଆଉ ତୁମ୍ଭେମାନେ ପୋଡ଼ା ଖୁଣ୍ଟ ପରି ଅଗ୍ନିରୁ କଢ଼ାଗଲ;

ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।"

ଏହା ସଦାପ୍ରଭୁ କହନ୍ତି।

12 "ଏଥିପାଇଁ ହେ ଇସ୍ରାଏଲ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା;

ଆଉ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା,

ଏଥିସକାଶୁ ହେ ଇସ୍ରାଏଲ, ତୁମ୍ଭେ ଆପଣା ପରମେଶ୍ୱରଙ୍କ ସହିତ

ସାକ୍ଷାତ କରିବାକୁ ପ୍ରସ୍ତୁତ ହୁଅ।"

13 କାରଣ ଦେଖ, ଯେ ପର୍ବତଗଣ ନିର୍ମାଣ କରନ୍ତି,

ବାୟୁକୁ ସୃଷ୍ଟି କରନ୍ତି ଓ ମନୁଷ୍ୟ ପ୍ରତି ତାହାର ଚିନ୍ତା ପ୍ରକାଶ କରନ୍ତି,

ଯେ ଅରୁଣକୁ ଅନ୍ଧକାରମୟ କରନ୍ତି

ଓ ପୃଥିବୀର ଉଚ୍ଚସ୍ଥଳୀସକଳର ଉପରେ ଗମନାଗମନ କରନ୍ତି।

ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ତାହାଙ୍କର ନାମ।

Veja também

Publicidade
Amós
Ver todos os capítulos de Amós
Bíblia Online Bíblia Online

Bíblia Online • Versão: 2026-06-15_21-32-39-