Publicidade

Isaías 61

ମୁକ୍ତିର ଶୁଭ ସମ୍ବାଦ

1 ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋʼ ଠାରେ ଅଧିଷ୍ଠାନ କରନ୍ତି;

କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି;

ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ,

ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;

2 ସଦାପ୍ରଭୁଙ୍କର ଗ୍ରାହ୍ୟ ବର୍ଷ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧର ଦିନ ଘୋଷଣା କରିବାକୁ;

ଶୋକାର୍ତ୍ତ ସମସ୍ତଙ୍କୁ ସାନ୍ତ୍ୱନା କରିବାକୁ; 3 ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍‍, ଭସ୍ମର ପରିବର୍ତ୍ତେ ଭୂଷଣ,

ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି;

ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।

4 ପୁଣି, ସେମାନେ ପୁରାତନ ଧ୍ୱଂସିତ ସ୍ଥାନସବୁ ନିର୍ମାଣ କରିବେ, ପୂର୍ବକାଳର ନଷ୍ଟ ସ୍ଥାନସବୁ ଉଠାଇବେ,

ଆଉ ସେମାନେ ଧ୍ୱଂସିତ ଓ ଅନେକ ପୁରୁଷ ପରମ୍ପରାର ନଷ୍ଟ ନଗରସକଳ ନୂତନ କରିବେ।

5 ପୁଣି, ଅପରିଚିତ ଲୋକମାନେ ତୁମ୍ଭମାନଙ୍କର ପଲ ଚରାଇବା ପାଇଁ ଠିଆ ହେବେ ଓ ବିଦେଶୀୟମାନେ ତୁମ୍ଭମାନଙ୍କର ଶସ୍ୟକ୍ଷେତ୍ରର ଓ ଦ୍ରାକ୍ଷାକ୍ଷେତ୍ରର କୃଷକ ହେବେ।

6 ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କର ଯାଜକ ବୋଲି ବିଖ୍ୟାତ ହେବ; ଲୋକମାନେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିଚାରକ ବୋଲି ଡାକିବେ;

ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କ ସମ୍ପତ୍ତି ଭୋଗ କରିବ ଓ ସେମାନଙ୍କ ଐଶ୍ୱର୍ଯ୍ୟରେ ତୁମ୍ଭେମାନେ ଦର୍ପ କରିବ।

7 ତୁମ୍ଭେମାନେ ଲଜ୍ଜାର ପରିବର୍ତ୍ତେ ଦୁଇଗୁଣ ସମ୍ମାନ ପାଇବ; ପୁଣି, ଅପମାନର ପରିବର୍ତ୍ତେ ସେମାନେ ଆପଣା ଆପଣା ଅଧିକାରରେ ଆନନ୍ଦ କରିବେ;

ଏନିମନ୍ତେ ସେମାନେ ଆପଣାମାନଙ୍କ ଦେଶରେ ଦୁଇଗୁଣ ଅଂଶ ପାଇବେ; ସେମାନଙ୍କର ଅନନ୍ତକାଳସ୍ଥାୟୀ ଆହ୍ଲାଦ ହେବ।

8 କାରଣ ଆମ୍ଭେ ସଦାପ୍ରଭୁ ନ୍ୟାୟବିଚାର ଭଲ ପାଉ, ଆମ୍ଭେ ଅଧର୍ମଯୁକ୍ତ ଅପହରଣ ଘୃଣା କରୁ;

ଆଉ, ଆମ୍ଭେ ସତ୍ୟରେ ସେମାନଙ୍କୁ ପ୍ରତିଫଳ ଦେବା ଓ ସେମାନଙ୍କ ସହିତ ଅନନ୍ତକାଳସ୍ଥାୟୀ ଏକ ନିୟମ କରିବା।

9 ପୁଣି, ସେମାନଙ୍କ ବଂଶ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଓ ସେମାନଙ୍କ ସନ୍ତାନଗଣ ଗୋଷ୍ଠୀସମୂହର ମଧ୍ୟରେ ବିଖ୍ୟାତ ହେବେ;

ସେମାନେ ସଦାପ୍ରଭୁଙ୍କର ଆଶୀର୍ବାଦ ପ୍ରାପ୍ତ ବଂଶ ବୋଲି ସେମାନଙ୍କୁ ଦେଖିବା ଲୋକ ସମସ୍ତେ ସ୍ୱୀକାର କରିବେ।

10 ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି; ମୋର ପ୍ରାଣ ମୋʼ ପରମେଶ୍ୱରଙ୍କଠାରେ ଉଲ୍ଲସିତ ହେବ;

କାରଣ ବର ଯେପରି ଭୂଷଣରେ ଆପଣାକୁ ଭୂଷିତ କରେ ଓ କନ୍ୟା ଯେପରି ଆପଣା ରତ୍ନରେ ଆପଣାକୁ ଭୂଷିତା କରେ,

ସେହିପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ବସ୍ତ୍ରାନ୍ୱିତ କରିଅଛନ୍ତି ଓ ଧର୍ମରୂପ ରାଜବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି।

11 କାରଣ ଭୂମି ଯେପରି ଆପଣା ଅଙ୍କୁର ବାହାର କରେ ଓ ଉଦ୍ୟାନ ଯେପରି ଆପଣା ମଧ୍ୟରେ ବୁଣାଯିବା ପଦାର୍ଥସବୁ ଅଙ୍କୁରିତ କରେ,

ସେହିପରି ପ୍ରଭୁ ସଦାପ୍ରଭୁ ସମଗ୍ର ଦେଶୀୟମାନଙ୍କ ସାକ୍ଷାତରେ ଧର୍ମ ଓ ପ୍ରଶଂସା ଅଙ୍କୁରିତ କରିବେ।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-15_21-32-39-