Publicidade

Jeremias 6

ଯିରୂଶାଲମର ଆସନ୍ନ ବିପଦ

1 ହେ ବିନ୍ୟାମୀନ୍ ଲୋକମାନେ, ତୁମ୍ଭେମାନେ ରକ୍ଷା ପାଇବା ପାଇଁ ଯିରୂଶାଲମ ମଧ୍ୟରୁ ପଳାୟନ କର,

ତକୋୟ ସହରରେ ତୂରୀ ବଜାଅ ଓ ବେଥ୍-ହକ୍କେରମ୍‍ ନଗରରେ ଧ୍ୱଜା ଟେକ;

କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ନିରୀକ୍ଷଣ କରୁଅଛି।

2 ସୁନ୍ଦରୀ ଓ ସୁକୁମାରୀ ସିୟୋନ କନ୍ୟାକୁ ଆମ୍ଭେ ସଂହାର କରିବା।

3 ମେଷପାଳକମାନେ ଆପଣା ଆପଣା ପଲ ସଙ୍ଗେ ନେଇ ତାହା ନିକଟକୁ ଆସିବେ;

ସେମାନେ ତାହା ବିରୁଦ୍ଧରେ ଚତୁର୍ଦ୍ଦିଗରେ ଆପଣା ଆପଣା ତମ୍ବୁ ସ୍ଥାପନ କରିବେ;

ପ୍ରତ୍ୟେକେ ଆପଣା ଆପଣା ସ୍ଥାନରେ ପଲ ଚରାଇବେ।

4 "ତୁମ୍ଭେମାନେ ତାହା ବିରୁଦ୍ଧରେ ଯୁଦ୍ଧ ଆୟୋଜନ କର;

ଉଠ, ଆମ୍ଭେମାନେ ମଧ୍ୟାହ୍ନ କାଳରେ ଯାତ୍ରା କରୁ,"

"ହାୟ ହାୟ, କାରଣ ଦିନ ଅବସାନ ହେଉଅଛି, ସନ୍ଧ୍ୟାକାଳର ଛାୟା ଦୀର୍ଘ ହେଉଅଛି।"

5 "ଉଠ, ଆମ୍ଭେମାନେ ରାତ୍ରିରେ ଯାତ୍ରା କରୁ ଓ ତାହାର ଅଟ୍ଟାଳିକାସବୁ ବିନାଶ କରୁ।"

6 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି,

"ତୁମ୍ଭେମାନେ ବୃକ୍ଷ କାଟି ଯିରୂଶାଲମର ପ୍ରତିକୂଳରେ ବନ୍ଧ ବାନ୍ଧ;

ସେହି ନଗର ପ୍ରତିଫଳ ପାଇବାର ଯୋଗ୍ୟ; ତାହାର ଭିତର ସମ୍ପୂର୍ଣ୍ଣ ଉପଦ୍ରବମୟ।

7 ଯେପରି ନିର୍ଝର ଜଳ ନିର୍ଗତ କରେ, ସେପରି ସେ ଆପଣା ଦୁଷ୍ଟତା ନିର୍ଗତ କରେ;

ତାହା ମଧ୍ୟରେ ଦୌରାତ୍ମ୍ୟ ଓ ଅପହରଣ ଶୁଣାଯାଏ;

ପୁଣି, ପୀଡ଼ା ଓ କ୍ଷତ ନିରନ୍ତର ଆମ୍ଭ ସାକ୍ଷାତରେ ଥାଏ।

8 ହେ ଯିରୂଶାଲମ, ତୁମ୍ଭେ ଶିକ୍ଷା ଗ୍ରହଣ କର,

ନୋହିଲେ ଆମ୍ଭର ପ୍ରାଣ ତୁମ୍ଭଠାରୁ ବିଚ୍ଛିନ୍ନ ହେବ

ଓ ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ, ବସତିହୀନ ସ୍ଥାନ କରିବା।"

9 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି,

"ସେମାନେ ଇସ୍ରାଏଲର ଅବଶିଷ୍ଟ ଲୋକଙ୍କୁ ଦ୍ରାକ୍ଷାଫଳ ପରି ସମ୍ପୂର୍ଣ୍ଣ ରୂପେ ତୋଳି ନେବେ;

ତୁମ୍ଭେ ଦ୍ରାକ୍ଷାଫଳ ସଂଗ୍ରହକାରୀ ସଦୃଶ୍ୟ ବାରମ୍ବାର ଆପଣା ହସ୍ତ ଟୋକାଇରେ ଦିଅ।"

10 ସେମାନେ ଯେପରି ଶୁଣିବେ, ଏଥିପାଇଁ ମୁଁ କାହାକୁ କହିବି ଓ କାହାକୁ ସାକ୍ଷ୍ୟ ଦେବି?

ଦେଖ, ସେମାନଙ୍କର କର୍ଣ୍ଣ ବନ୍ଦ ଅଛି ଓ ସେମାନେ ଶୁଣି ପାରନ୍ତି ନାହିଁ;

ଦେଖ, ସଦାପ୍ରଭୁଙ୍କର ବାକ୍ୟ ସେମାନଙ୍କ ନିକଟରେ ତୁଚ୍ଛନୀୟ ହୋଇଅଛି;

ତହିଁରେ ସେମାନଙ୍କର କିଛି ଆହ୍ଲାଦ ନାହିଁ।

11 ଏହେତୁ ମୁଁ ସଦାପ୍ରଭୁଙ୍କ କ୍ରୋଧରେ ପରିପୂର୍ଣ୍ଣ ହୋଇଅଛି;

ମୁଁ ତାହା ସମ୍ଭାଳି ରଖିବାରେ କ୍ଳାନ୍ତ ହୋଇଅଛି;

"ସଡ଼କରେ ବାଳକମାନଙ୍କ ଉପରେ

ଓ ଯୁବାମାନଙ୍କ ସଭାରେ ତାହା ଏକାବେଳେ ଢାଳି ପକାଅ;

କାରଣ ସ୍ୱାମୀ ଓ ଭାର୍ଯ୍ୟା ବୃଦ୍ଧ ଜରାଗ୍ରସ୍ତ ସମସ୍ତେ ଧରାଯିବେ।

12 ପୁଣି, ସେମାନଙ୍କର ଗୃହ ଓ ସେମାନଙ୍କର କ୍ଷେତ୍ର

ଓ ସେମାନଙ୍କର ଭାର୍ଯ୍ୟା ଏକାବେଳେ ଅନ୍ୟମାନଙ୍କର ହେବ;

କାରଣ ସଦାପ୍ରଭୁ କହନ୍ତି,

ଆମ୍ଭେ ଦେଶନିବାସୀମାନଙ୍କ ଉପରେ ଆପଣା ହସ୍ତ ବିସ୍ତାର କରିବା।"

13 "ଯେହେତୁ ସେମାନଙ୍କର କ୍ଷୁଦ୍ରଠାରୁ

ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ଲୋଭାସକ୍ତ;

ପୁଣି ଭବିଷ୍ୟଦ୍‍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ମିଥ୍ୟାଚରଣ କରନ୍ତି।

14 ଆହୁରି, ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି ଶାନ୍ତି’ ବୋଲି କହି

ଆମ୍ଭ ଲୋକମାନଙ୍କ କ୍ଷତ ହାଲୁକା ଭାବରେ ସୁସ୍ଥ କରିଅଛନ୍ତି।

15 ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କି ଲଜ୍ଜିତ ହେଲେ?

ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ;

ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ;

ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପ୍ରତିଫଳ ଦେବା ବେଳେ ସେମାନେ ନିପାତିତ ହେବେ।"

16 ସଦାପ୍ରଭୁ ଏହି କଥା କହନ୍ତି,

"ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆ ହୋଇ ଦେଖ,

ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ? ଓ ତହିଁରେ ଗମନ କର;

ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ;

ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ।’

17 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପ୍ରହରୀଗଣ ନିଯୁକ୍ତ କରି କହିଲୁ, ‘ତୂରୀର ଶବ୍ଦ ଶୁଣ;’

ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ଶୁଣିବା ନାହିଁ।’

18 ଏହେତୁ ହେ ନାନା ଦେଶୀୟମାନେ, ତୁମ୍ଭେମାନେ ଶୁଣ,

ଆଉ ହେ ମଣ୍ଡଳୀ, ସେମାନଙ୍କ ମଧ୍ୟରେ କଅଣ ଅଛି, ତାହା ଜ୍ଞାତ ହୁଅ।

19 ହେ ପୃଥିବୀ, ଶୁଣ; ଦେଖ, ଆମ୍ଭେ ଏହି ଲୋକମାନଙ୍କ ଉପରେ ଅମଙ୍ଗଳ,

ଅର୍ଥାତ୍‍, ସେମାନଙ୍କ କଳ୍ପନାସମୂହର ଫଳ ବର୍ତ୍ତାଇବା,

କାରଣ ସେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହାନ୍ତି

ଓ ଆମ୍ଭର ବ୍ୟବସ୍ଥା ସେମାନେ ଅଗ୍ରାହ୍ୟ କରିଅଛନ୍ତି।

20 ଶିବା ଦେଶରୁ କୁନ୍ଦୁରୁ ଓ ଦୂର ଦେଶରୁ ସୁଗନ୍ଧି ବଚ ଆସିବାର ଫଳ କଅଣ?

ତୁମ୍ଭମାନଙ୍କର ହୋମବଳିସବୁ ଗ୍ରାହ୍ୟ ନୁହେଁ,

କିଅବା ତୁମ୍ଭମାନଙ୍କର ବଳିଦାନସବୁ ଆମ୍ଭର ତୁଷ୍ଟିଜନକ ନୁହେଁ।

21 ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି,

‘ଦେଖ, ଆମ୍ଭେ ଏହି ଲୋକମାନଙ୍କ ଆଗରେ ନାନା ବିଘ୍ନ ଥୋଇବା;

ତଦ୍ଦ୍ୱାରା ପିତୃଗଣ ଓ ପୁତ୍ରଗଣ ଏକ ସଙ୍ଗେ ଝୁଣ୍ଟି ପଡ଼ିବେ;

ପ୍ରତିବାସୀ ଓ ତାହାର ମିତ୍ର ବିନଷ୍ଟ ହେବେ।’"

22 ସଦାପ୍ରଭୁ ଏହି କଥା କହନ୍ତି,

"ଦେଖ, ଉତ୍ତର ଦେଶରୁ ଏକ ଜନବୃନ୍ଦ ଆସୁଅଛନ୍ତି

ଓ ପୃଥିବୀର ପ୍ରାନ୍ତଭାଗରୁ ଏକ ମହାଗୋଷ୍ଠୀ ଉତ୍ତେଜିତ ହେବେ।

23 ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ;

ସେମାନଙ୍କର ରବ ସମୁଦ୍ର ପରି ଗର୍ଜ୍ଜନ କରେ ଓ ସେମାନେ ଅଶ୍ୱାରୋହଣ କରନ୍ତି;

ଆଗୋ ସିୟୋନର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ

ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି।"

24 ଆମ୍ଭେମାନେ ସେ ବିଷୟର ଜନରବ ଶୁଣିଅଛୁ; ଆମ୍ଭମାନଙ୍କର ହସ୍ତ ଦୁର୍ବଳ ହୁଏ;

ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ଆମ୍ଭମାନଙ୍କୁ ଆକ୍ରାନ୍ତ କରିଅଛି।

25 ବାହାର ହୋଇ କ୍ଷେତ୍ରକୁ ଯାଅ ନାହିଁ, ଅଥବା ପଥରେ ଗମନ କର ନାହିଁ;

କାରଣ ଚାରିଆଡ଼େ ଶତ୍ରୁର ଖଡ୍ଗ ଓ ଆଶଙ୍କା ଅଛି।

26 ଆଗୋ ମୋର ଲୋକମାନଙ୍କର କନ୍ୟେ, ତୁମ୍ଭେ ଚଟ ପିନ୍ଧ, ଭସ୍ମରେ ଗଡ଼;

ଅଦ୍ୱିତୀୟ ପୁତ୍ର ଲାଗି ଶୋକ ତୁଲ୍ୟ ତୁମ୍ଭେ ଶୋକ ଓ ଅତିଶୟ ବିଳାପ କର;

କାରଣ ବିନାଶକ ଅକସ୍ମାତ୍‍ ଆମ୍ଭମାନଙ୍କୁ ଆକ୍ରମଣ କରିବ।

27 "ତୁମ୍ଭେ ଯେପରି ଆମ୍ଭ ଲୋକମାନଙ୍କର ପଥ ଜ୍ଞାତ ହୋଇ ପରୀକ୍ଷା କରି ପାରିବ,

ଏଥିପାଇଁ ଆମ୍ଭେ ସେମାନଙ୍କ ମଧ୍ୟରେ ତୁମ୍ଭକୁ ଏକ ଉଚ୍ଚ ଗୃହ ଓ ଦୁର୍ଗ ସ୍ୱରୂପ କରିଅଛୁ।

28 ସେସମସ୍ତେ ଦାରୁଣ ଅବାଧ୍ୟ, ଚାରିଆଡ଼େ ନିନ୍ଦା ଘେନି ବୁଲନ୍ତି;

ସେମାନେ ପିତ୍ତଳ ଓ ଲୁହା ପରି; ସେସମସ୍ତେ ଭ୍ରଷ୍ଟାଚାରୀ।

29 ଭାଟି ପ୍ରଚଣ୍ଡ ରୂପେ ତାତୁଛି; ସୀସା ଅଗ୍ନିରେ କ୍ଷୟ ପାଇଅଛି;

ସେମାନେ ବୃଥାରେ ଖାଦ ବାହାର କରିବା କାର୍ଯ୍ୟରେ ଲାଗିଅଛନ୍ତି;

କାରଣ ଦୁଷ୍ଟମାନେ ଉତ୍ପାଟିତ ହେଉ ନାହାନ୍ତି।

30 ସଦାପ୍ରଭୁ ସେମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି,

ଏଣୁ ଲୋକେ ସେମାନଙ୍କୁ ଅଗ୍ରାହ୍ୟ ରୂପା ବୋଲି କହିବେ।"

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-22_10-02-25-