Publicidade

Jó 10

ଆୟୁବ - ପରମେଶ୍ୱରଙ୍କୁ ବିନତି

1 ମୋʼ ପ୍ରାଣ ମୋʼ ଜୀବନ ବିଷୟରେ କ୍ଳାନ୍ତ ହୋଇଅଛି,

ମୁଁ ଆପଣା ଦୁଃଖ ସ୍ୱଚ୍ଛନ୍ଦରେ କହିବି;

ମୁଁ ଆପଣା ପ୍ରାଣର ତିକ୍ତତାରେ କହିବି।

2 ମୁଁ ପରମେଶ୍ୱରଙ୍କୁ କହିବି, ମୋତେ ଦୋଷୀ କର ନାହିଁ;

କାହିଁକି ମୋʼ ସଙ୍ଗେ ବିରୋଧ କରୁଅଛ, ତାହା ମୋତେ ଜଣାଅ।

3 ତୁମ୍ଭେ ଯେ ଉପଦ୍ରବ କରିବ,

ତୁମ୍ଭେ ଯେ ଆପଣା ହସ୍ତର କର୍ମ ତୁଚ୍ଛ କରିବ

ଓ ଦୁଷ୍ଟର ମନ୍ତ୍ରଣାରେ ପ୍ରସନ୍ନ ହେବ, ଏହା କʼଣ ତୁମ୍ଭ ପ୍ରତି ଭଲ?

4 ତୁମ୍ଭର କʼଣ ଚର୍ମର ଚକ୍ଷୁ ଅଛି?

ଅବା ମନୁଷ୍ୟ ଯେପରି ଦେଖେ, ତୁମ୍ଭେ କʼଣ ସେପରି ଦେଖୁଅଛ?

5 ତୁମ୍ଭର ଆୟୁ କʼଣ ମନୁଷ୍ୟର ଆୟୁ ତୁଲ୍ୟ,

ଅବା ତୁମ୍ଭର ବର୍ଷସମୂହ କʼଣ ମନୁଷ୍ୟର ଦିନସମୂହ ତୁଲ୍ୟ

6 ଯେ, ତୁମ୍ଭେ ମୋହର ଅଧର୍ମ ଅନୁସନ୍ଧାନ କରୁଅଛ

ଓ ମୋହର ପାପ ଅନ୍ଵେଷଣ କରୁଅଛ?

7 ତୁମ୍ଭେ ତ ଜାଣ, ମୁଁ ଦୁଷ୍ଟ ନୁହେଁ

ଓ ତୁମ୍ଭ ହସ୍ତରୁ ଉଦ୍ଧାର କରିବାକୁ କେହି ସମର୍ଥ ନୁହେଁ।

8 ତୁମ୍ଭର ହସ୍ତ ମୋତେ ଗଢ଼ିଅଛି ଓ ସର୍ବାଙ୍ଗ ସୁସଂଯୁକ୍ତ କରି ମୋତେ ନିର୍ମାଣ କରିଅଛି;

ତଥାପି ତୁମ୍ଭେ ମୋତେ ସଂହାର କରୁଅଛ।

9 ମୁଁ ବିନୟ କରୁଅଛି, ସ୍ମରଣ କର, ତୁମ୍ଭେ ମୋତେ ମୃତ୍ତିକା ତୁଲ୍ୟ ଗଢ଼ିଅଛ

ଓ ତୁମ୍ଭେ କʼଣ ମୋତେ ପୁନର୍ବାର ଧୂଳି କରିବ?

10 ତୁମ୍ଭେ କʼଣ ଦୁଗ୍ଧ ନ୍ୟାୟ ମୋତେ ଢାଳି ନାହଁ

ଓ ଛେନା ତୁଲ୍ୟ ମୋତେ ଶକ୍ତ କରି ନାହଁ?

11 ତୁମ୍ଭେ ମୋତେ ଚର୍ମ ଓ ମାଂସରେ ବସ୍ତ୍ରାନ୍ୱିତ କରିଅଛ,

ପୁଣି ଅସ୍ଥି ଓ ଶିରାରେ ମୋତେ ଏକତ୍ର ବୁଣିଅଛ।

12 ତୁମ୍ଭେ ମୋତେ ଜୀବନ ଓ ଅନୁଗ୍ରହ ଦାନ କରିଅଛ

ଓ ତୁମ୍ଭର ତତ୍ତ୍ୱାବଧାରଣ ମୋର ଆତ୍ମାକୁ ରକ୍ଷା କରିଅଛି।

13 ତଥାପି ତୁମ୍ଭେ ଏହିସବୁ ବିଷୟ ଆପଣା ମନରେ ଗୁପ୍ତ କରି ରଖିଅଛ;

ମୁଁ ଜାଣେ, ଏହା ହିଁ ତୁମ୍ଭର ବିଚାର;

14 ମୁଁ ପାପ କଲେ, ତୁମ୍ଭେ ମୋତେ ଲକ୍ଷ୍ୟ କରୁଅଛ

ଓ ତୁମ୍ଭେ ମୋର ଅଧର୍ମରୁ ମୋତେ ମୁକ୍ତ କରିବ ନାହିଁ।

15 ମୁଁ ଦୁଷ୍ଟ ହେଲେ, ମୋର ସନ୍ତାପ ହେବ,

ପୁଣି ମୁଁ ଧାର୍ମିକ ହେଲେ ହେଁ ଅବମାନନାରେ ପୂର୍ଣ୍ଣ ହେବାରୁ

ଓ ଆପଣା କ୍ଳେଶ ପ୍ରତି ଅନାଇବାରୁ ଆପଣା ମସ୍ତକ ଟେକି ପାରୁ ନାହିଁ।

16 ମାତ୍ର ମୋର ମସ୍ତକ ଆପେ ଟେକି ହେଲେ, ତୁମ୍ଭେ ସିଂହ ପରି ମୋତେ ମୃଗୟା କରୁଅଛ

ଓ ତୁମ୍ଭେ ପୁନର୍ବାର ମୋʼ ପ୍ରତି ଆପଣାକୁ ଅଦ୍ଭୁତ ଦେଖାଉଅଛ।

17 ତୁମ୍ଭେ ମୋʼ ବିରୁଦ୍ଧରେ ନୂଆ ନୂଆ ସାକ୍ଷୀ ଆଣୁଅଛ

ଓ ତୁମ୍ଭେ ମୋʼ ଉପରେ ଆପଣା କ୍ରୋଧ ବୃଦ୍ଧି କରୁଅଛ;

ନୂତନ ନୂତନ ସୈନ୍ୟଦଳ ମୋହର ପ୍ରତିକୂଳ।

18 ତେବେ ତୁମ୍ଭେ କାହିଁକି ମୋତେ ଗର୍ଭରୁ ବାହାର କରି ଆଣିଅଛ?

ମୁଁ ପ୍ରାଣତ୍ୟାଗ କରିଥାʼନ୍ତି ଓ କୌଣସି ଚକ୍ଷୁ ମୋତେ ଦେଖି ନ ଥାʼନ୍ତା,

19 ମୁଁ ଅଜାତର ତୁଲ୍ୟ ହୋଇଥାʼନ୍ତି;

ମୁଁ ଗର୍ଭରୁ କବରକୁ ଘେନା ଯାଇଥାʼନ୍ତି।

20 ମୋହର ଦିନ କʼଣ ଅଳ୍ପ ନୁହେଁ? ତେବେ କ୍ଷାନ୍ତ ହୁଅ,

21 ମୋତେ ଛାଡ଼ିଦିଅ, ତହିଁରେ ମୁଁ ଯେଉଁ ସ୍ଥାନରୁ ଫେରି ଆସିବି ନାହିଁ,

ଏପରି ଅନ୍ଧକାର ଓ ମୃତ୍ୟୁୁଚ୍ଛାୟାରୂପ ଦେଶକୁ ଯିବା ପୂର୍ବେ ମୁଁ କ୍ଷଣକାଳ ସାନ୍ତ୍ୱନା ପାଇବି;

22 ସେ ଦେଶ ଅନ୍ଧକାର ତୁଲ୍ୟ ନିବିଡ଼ ଅନ୍ଧକାରମୟ;

ସେ ଦେଶ ମୃତ୍ୟୁୁଚ୍ଛାୟାମୟ, ସୁଧାରାବିହୀନ

ଓ ସେଠାରେ ଦୀପ୍ତି ଅନ୍ଧକାରର ସମାନ।"

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-19_11-20-24-