Publicidade

Jó 2

ଆୟୁବଙ୍କ ସ୍ୱାସ୍ଥ୍ୟରେ ଶୟତାନର ଆକ୍ରମଣ

1 ପୁନର୍ବାର ଦିନକରେ ପରମେଶ୍ୱରଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ମଧ୍ୟ ସେମାନଙ୍କ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ଆସିଲା। 2 ଏଥିରେ ସଦାପ୍ରଭୁ ଶୟତାନକୁ ପଚାରିଲେ, "ତୁମ୍ଭେ କେଉଁଠାରୁ ଆସିଲ?" ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, "ପୃଥିବୀରେ ଏଣେତେଣେ ଭ୍ରମଣ ଓ ତହିଁ ମଧ୍ୟରେ ଗମନାଗମନ କରି କରି ଆସିଲି।" 3 ତହୁଁ ସଦାପ୍ରଭୁ ଶୟତାନକୁ ପଚାରିଲେ, "ତୁମ୍ଭେ କି ଆମ୍ଭ ଦାସ ଆୟୁବ ପ୍ରତି ଧ୍ୟାନ ଦେଇଅଛ? କାରଣ ତାହାର ସମାନ ସିଦ୍ଧ ଓ ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଲୋକ ପୃଥିବୀରେ କେହି ନାହିଁ; ପୁଣି, ଅକାରଣରେ ତାହାକୁ ନାଶ କରିବା ପାଇଁ ତୁମ୍ଭେ ତାହା ବିରୁଦ୍ଧରେ ଆମ୍ଭକୁ ପ୍ରବର୍ତ୍ତାଇଲେ ହେଁ ସେ ଏପର୍ଯ୍ୟନ୍ତ ଆପଣା ସରଳତା ଦୃଢ଼ କରି ଧରିଅଛି।" 4 ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, "ଚର୍ମ ନିମନ୍ତେ ଚର୍ମ, ଆପଣା ପ୍ରାଣ ନିମନ୍ତେ ମନୁଷ୍ୟ ସର୍ବସ୍ୱ ଦେବ। 5 ମାତ୍ର ତୁମ୍ଭେ ଏବେ ହସ୍ତ ବଢ଼ାଇ ତାହାର ଅସ୍ଥି ଓ ମାଂସକୁ ଆଘାତ କର, ତହିଁରେ ସେ ତୁମ୍ଭ ମୁଖ ଆଗରେ ତୁମ୍ଭକୁ ପରିତ୍ୟାଗ କରିବ।" 6 ତହିଁରେ ସଦାପ୍ରଭୁ ଶୟତାନକୁ କହିଲେ, "ଦେଖ, ସେ ତୁମ୍ଭର ହସ୍ତଗତ, କେବଳ ତାହାର ପ୍ରାଣ ରକ୍ଷା କର।"

7 ଏଉତ୍ତାରେ ଶୟତାନ ସଦାପ୍ରଭୁଙ୍କ ଛାମୁରୁ ବାହାରିଯାଇ ଆୟୁବର ତଳିପାରୁ ମସ୍ତକ ପର୍ଯ୍ୟନ୍ତ ଯନ୍ତ୍ରଣାଦାୟକ ଘାଆରେ ତାହାକୁ ଆଘାତ କଲା। 8 ଏଣୁ ସେ ସର୍ବାଙ୍ଗ କୁଣ୍ଡାଇବା ପାଇଁ ଖଣ୍ଡେ ଖପରା ନେଲା ଓ ସେ ଭସ୍ମ ମଧ୍ୟରେ ବସିଲା9 ତହିଁରେ ତାହାର ଭାର୍ଯ୍ୟା ତାହାକୁ କହିଲା, "ତୁମ୍ଭେ କି ଏପର୍ଯ୍ୟନ୍ତ ଆପଣାର ସରଳତା ଦୃଢ଼ କରି ଧରୁଅଛ? ପରମେଶ୍ୱରଙ୍କୁ ପରିତ୍ୟାଗ କରି ମର।"

10 ସେ ତାହାକୁ କହିଲା, "ତୁମ୍ଭେ ଏକ ମୂଢ଼ା ସ୍ତ୍ରୀ ପରି କଥା କହୁଅଛ, ଆମ୍ଭେମାନେ କି ପରମେଶ୍ୱରଙ୍କ ହସ୍ତରୁ ମଙ୍ଗଳ ଗ୍ରହଣ କରିବା ଆଉ, ଅମଙ୍ଗଳ କʼଣ ଗ୍ରହଣ କରିବା ନାହିଁ?" ଏହିସବୁରେ ଆୟୁବ ଆପଣା ଓଷ୍ଠରେ ପାପ କଲା ନାହିଁ।

ଆୟୁବଙ୍କ ତିନି ବନ୍ଧୁଗଣ

11 ଆୟୁବ ପ୍ରତି ଘଟିତ ଏହିସବୁ ବିପଦର କଥା ତୈମନୀୟ ଇଲୀଫସ୍‍ ଓ ଶୂହୀୟ ବିଲ୍‍ଦଦ୍‍ ଓ ନାମାଥୀୟ ସୋଫର ନାମରେ ତାହାର ଏହି ତିନି ମିତ୍ର ଶୁଣି ସ୍ୱ ସ୍ୱ ସ୍ଥାନରୁ ଆସିଲେ; ପୁଣି, ସେମାନେ ତାହା ସଙ୍ଗେ ଶୋକ କରିବା ପାଇଁ ଓ ତାହାକୁ ସାନ୍ତ୍ୱନା କରିବା ପାଇଁ ଆସିବାକୁ ଏକତ୍ର ସ୍ଥିର କଲେ। 12 ଏଉତ୍ତାରେ ସେମାନେ ଦୂରରୁ ଅନାଇ ତାହାକୁ ଚିହ୍ନି ନ ପାରି ଉଚ୍ଚସ୍ୱରରେ ରୋଦନ କଲେ; ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ବସ୍ତ୍ର ଚିରି ଆକାଶ ଆଡ଼େ ଆପଣା ଆପଣା ମସ୍ତକ ଉପରେ ଧୂଳି ବିଞ୍ଚିଲେ। 13 ତହୁଁ ସେମାନେ ସାତ ଦିନ ଓ ସାତ ରାତ୍ରି ତାହା ସଙ୍ଗେ ଭୂମିରେ ବସିଲେ, କେହି ତାହାକୁ କିଛି କହିଲେ ନାହିଁ; କାରଣ ସେମାନେ ତାହାର ଯାତନା ଅତି ବଡ଼ ବୋଲି ଦେଖିଲେ।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-18_14-04-22-