Publicidade

Jó 24

1 କାହିଁକି ସର୍ବଶକ୍ତିମାନଙ୍କ ଦ୍ୱାରା ସମୟ ନିରୂପିତ ହୋଇ ନାହିଁ

ଓ ତାହାଙ୍କୁ ଜାଣିବା ଲୋକମାନେ କାହିଁକି ତାହାଙ୍କ ଦିନ ଦେଖନ୍ତି ନାହିଁ?

2 କେହି କେହି ଭୂମିର ସୀମାଚିହ୍ନ ଘୁଞ୍ଚାନ୍ତି,

ସେମାନେ ବଳରେ ମେଷପଲ ହରଣ କରି ଚରାନ୍ତି।

3 ସେମାନେ ପିତୃହୀନର ଗର୍ଦ୍ଦଭ ଅଡ଼ାଇ ନିଅନ୍ତି,

ବିଧବାର ଗୋରୁ ବନ୍ଧକ ରୂପେ ନିଅନ୍ତି।

4 ସେମାନେ ଦୀନହୀନକୁ ବାଟରୁ ତଡ଼ି ଦିଅନ୍ତି;

ଦେଶସ୍ଥ ଦରିଦ୍ରମାନେ ଏକତ୍ର ଲୁଚନ୍ତି।

5 ଦେଖ, ସେମାନେ ପ୍ରାନ୍ତରସ୍ଥ ବନ୍ୟ ଗର୍ଦ୍ଦଭ ତୁଲ୍ୟ

ଆପଣା ଆପଣା କାର୍ଯ୍ୟରେ ବାହାରି ଯତ୍ନପୂର୍ବକ ଆହାର ଅନ୍ଵେଷଣ କରନ୍ତି;

ଅରଣ୍ୟ ସେମାନଙ୍କ ବାଳକଗଣ ନିମନ୍ତେ ଆହାର ଉତ୍ପନ୍ନ କରେ।

6 ସେମାନେ କ୍ଷେତ୍ରରେ ଆପଣାମାନଙ୍କ ଖାଦ୍ୟ କାଟନ୍ତି

ଓ ଦୁଷ୍ଟର ଦ୍ରାକ୍ଷାକ୍ଷେତ୍ରର ଅବଶିଷ୍ଟ ଫଳ ସାଉଣ୍ଟନ୍ତି।

7 ସେମାନେ ସାରାରାତ୍ରି ବସ୍ତ୍ର ବିନା ଉଲଙ୍ଗ ହୋଇ ଶୟନ କରନ୍ତି

ଓ ଶୀତକାଳରେ ସେମାନଙ୍କର ଆଚ୍ଛାଦନ ବସ୍ତ୍ର ନ ଥାଏ।

8 ସେମାନେ ପର୍ବତରେ ବୃଷ୍ଟିରେ ତିନ୍ତନ୍ତି,

ପୁଣି ଆଶ୍ରୟ ଅଭାବରୁ ଶୈଳରେ ଶରଣ ନିଅନ୍ତି।

9 କେହି କେହି ପିତୃହୀନକୁ ମାତୃସ୍ତନରୁ ଛଡ଼ାଇ ନିଅନ୍ତି

ଓ ଦରିଦ୍ରଠାରୁ ବନ୍ଧକ ନିଅନ୍ତି;

10 ଏହେତୁ ସେମାନେ ବସ୍ତ୍ର ବିନା ଉଲଙ୍ଗ ହୋଇ ବୁଲନ୍ତି

ଓ କ୍ଷୁଧିତ ହୋଇ ଶସ୍ୟବିଡ଼ା ବହନ୍ତି;

11 ସେମାନେ ଏହି ଲୋକମାନଙ୍କ ପ୍ରାଚୀର ଭିତରେ ତୈଳ ପ୍ରସ୍ତୁତ କରନ୍ତି

ଓ ସେମାନଙ୍କ ଦ୍ରାକ୍ଷାଯନ୍ତ୍ର ଦଳି ତୃଷିତ ହୁଅନ୍ତି।

12 ଜନପୂର୍ଣ୍ଣ ନଗରରୁ ଲୋକେ କାତରୋକ୍ତି କରନ୍ତି,

ଆହତ ଲୋକର ପ୍ରାଣ ଡାକ ପକାଏ;

ତଥାପି ପରମେଶ୍ୱର ଏହା ଦୋଷ ରୂପେ ଗଣନା କରନ୍ତି ନାହିଁ।

13 ସେମାନଙ୍କର କେହି କେହି ଆଲୁଅର ବିଦ୍ରୋହୀ;

ତହିଁର ମାର୍ଗ ସେମାନେ ଜାଣନ୍ତି ନାହିଁ,

ଅବା ତହିଁର ପଥରେ ରହନ୍ତି ନାହିଁ।

14 ହତ୍ୟାକାରୀ ପ୍ରଭାତ ସମୟରେ ଉଠି

ଦରିଦ୍ର ଓ ଦୀନହୀନକୁ ବଧ କରେ

ଓ ରାତ୍ରିରେ ସେ ଚୋର ପରି ହୁଏ।

15 ପାରଦାରିକର ଚକ୍ଷୁ ମଧ୍ୟ ସନ୍ଧ୍ୟାକାଳର ଅପେକ୍ଷା କରି କହେ,

କେହି ମୋତେ ଦେଖିବ ନାହିଁ

ଓ ସେ ଆପଣା ମୁଖ ଅନ୍ୟ ରୂପ କରେ।

16 ସେମାନେ ଅନ୍ଧକାରରେ ଗୃହ ସିନ୍ଧି କରନ୍ତି;

ସେମାନେ ଦିନ ବେଳେ ଲୁଚି ରହନ୍ତି,

ସେମାନେ ଆଲୁଅ ଜାଣନ୍ତି ନାହିଁ।

17 କାରଣ ସେସମସ୍ତଙ୍କ ପ୍ରତି ପ୍ରଭାତ ମୃତ୍ୟୁଚ୍ଛାୟା ପରି ଅଟେ;

ସେମାନେ ମୃତ୍ୟୁୁଚ୍ଛାୟାର ଭୟାନକତା ଜାଣନ୍ତି।"

18 "ସେ ଜଳ ଉପରେ ଶୀଘ୍ରଗାମୀ;

ଦେଶରେ ସେମାନଙ୍କ ଅଧିକାର ଅଭିଶପ୍ତ ଅଟେ;

ସେ ଦ୍ରାକ୍ଷାକ୍ଷେତ୍ରର ପଥ ଆଡ଼କୁ ଫେରେ ନାହିଁ।

19 ଯେପରି ଅନାବୃଷ୍ଟି ଓ ଗ୍ରୀଷ୍ମ ହିମଜଳକୁ,

ସେପରି ପାତାଳ ପାପୀମାନଙ୍କୁ ନଷ୍ଟ କରେ।

20 ଗର୍ଭ ତାହାକୁ ପାସୋରି ଯିବ;

କୀଟ ସୁସ୍ୱାଦୁ ଭକ୍ଷ୍ୟ ପରି ତାହାକୁ ଖାଇବ,

ସେ ଆଉ ସ୍ମରଣ କରାଯିବ ନାହିଁ;

ପୁଣି, ଅଧର୍ମ ବୃକ୍ଷ ପରି ଭଙ୍ଗାଯିବ।

21 ସେ ନିଃସନ୍ତାନା ବନ୍ଧ୍ୟାକୁ ଗ୍ରାସ କରେ

ଓ ବିଧବାର ମଙ୍ଗଳ କରେ ନାହିଁ।

22 ସେ ଆପଣା ଶକ୍ତିରେ ବିକ୍ରମୀ ଲୋକକୁ ମଧ୍ୟ ଟାଣି ପକାଏ,

ସେ ଉଠିଲେ କାହାରି ଜୀବନର ସ୍ଥିରତା ନ ଥାଏ।

23 ପରମେଶ୍ୱର ସେମାନଙ୍କୁ ନିରାପଦରେ ରହିବାକୁ ଦିଅନ୍ତି

ଓ ସେମାନେ ତହିଁରେ ନିର୍ଭର ରଖନ୍ତି ଓ ତାହାଙ୍କ ଦୃଷ୍ଟି ସେମାନଙ୍କ ମାର୍ଗରେ ଥାଏ।

24 ସେମାନେ ଉନ୍ନତ ହୁଅନ୍ତି; ତଥାପି ଅଳ୍ପ କାଳରେ ଅନ୍ତର୍ହିତ ହୁଅନ୍ତି;

ହଁ, ସେମାନେ ଅବନତ ହୁଅନ୍ତି, ସେମାନେ ଅନ୍ୟ ସମସ୍ତଙ୍କ ପରି ପଥରୁ ଘେନାଯାʼନ୍ତି,

ଆଉ ଶସ୍ୟଶିଁଷାର ଅଗ୍ରଭାଗ ପରି କଟାଯାʼନ୍ତି।

25 ପୁଣି, ବର୍ତ୍ତମାନ ଯଦି ଏପରି ନ ହୁଏ, ତେବେ କିଏ ଆମ୍ଭକୁ ମିଥ୍ୟାବାଦୀ ବୋଲି ପ୍ରମାଣ କରିବ

ଓ ଆମ୍ଭ କଥାକୁ ନିରର୍ଥକ କରିବ?"

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-19_11-20-24-