Publicidade

Jó 28

ଆୟୁବ - ଜ୍ଞାନର ଅବସ୍ଥିତି କେଉଁଠାରେ?

1 ନିଶ୍ଚୟ ରୂପାର ଆକର ଅଛି

ଓ ଲୋକମାନେ ଯେଉଁ ସୁବର୍ଣ୍ଣ ପରିଷ୍କାର କରନ୍ତି, ତହିଁର ସ୍ଥାନ ଅଛି।

2 ମୃତ୍ତିକାରୁ ଲୁହା କଢ଼ାଯାଏ

ଓ ଧାତୁ ପ୍ରସ୍ତରରୁ ପିତ୍ତଳ ତରଳାଯାଏ।

3 ମନୁଷ୍ୟ ଅନ୍ଧକାରର ସୀମା ନିର୍ଣ୍ଣୟ କରେ

ଓ ପ୍ରାନ୍ତସୀମା ପର୍ଯ୍ୟନ୍ତ ନିବିଡ଼ ଅନ୍ଧକାର

ଓ ମୃତ୍ୟୁୁଚ୍ଛାୟାସ୍ଥିତ ପ୍ରସ୍ତରସବୁ ଅନୁସନ୍ଧାନ କରେ।

4 ସେ ମନୁଷ୍ୟମାନଙ୍କ ପ୍ରବାସ-ସ୍ଥାନରୁ ଦୂରରେ ସୁଡ଼ଙ୍ଗ ଖୋଳେ;

ସେମାନେ ନିକଟଗାମୀ ଚରଣ ଦ୍ୱାରା ବିସ୍ମୃତ ହୁଅନ୍ତି;

ସେମାନେ ମନୁଷ୍ୟମାନଙ୍କଠାରୁ ଦୂରରେ ଝୁଲନ୍ତି, ସେମାନେ ଏଣେତେଣେ ଦୋହଲନ୍ତି।

5 ମୃତ୍ତିକାରୁ ଖାଦ୍ୟ ଉତ୍ପନ୍ନ ହୁଏ

ଓ ତହିଁର ଅଧୋଭାଗ ଅଗ୍ନି ଦ୍ୱାରା ଲଣ୍ଡଭଣ୍ଡ ହେଲା ପରି ହୁଏ।

6 ତହିଁର ପ୍ରସ୍ତର ନୀଳକାନ୍ତମଣିର ସ୍ଥାନ

ଓ ତହିଁରେ ସୁବର୍ଣ୍ଣ ରେଣୁ ଥାଏ।

7 କୌଣସି ଶିକାରୀ ପକ୍ଷୀ ସେହି ପଥ ଜାଣେ ନାହିଁ,

କିଅବା ବାଜପକ୍ଷୀର ଚକ୍ଷୁ ହିଁ ତାହା ଦେଖି ନାହିଁ;

8 ଦର୍ପୀ ପଶୁଗଣ ତହିଁରେ ଗତାୟାତ କରି ନାହାନ୍ତି,

ଅବା ଭୟାନକ ସିଂହ ତହିଁ ନିକଟ ଦେଇ ଯାଇ ନାହିଁ।

9 ମନୁଷ୍ୟ ଦୃଢ଼ ଶୈଳ ଉପରେ ଆପଣା ହାତ ଦିଏ;

ସେ ପର୍ବତଗଣକୁ ସମୂଳେ ଓଲଟାଇ ପକାଏ।

10 ସେ ଶୈଳ ମଧ୍ୟରେ ନାଳ କାଟେ

ଓ ତାହାର ଚକ୍ଷୁ ସର୍ବପ୍ରକାର ବହୁମୂଲ୍ୟ ଦ୍ରବ୍ୟ ଦେଖେ।

11 ନ ଝରିବା ପାଇଁ ସେ ଜଳସ୍ରୋତ ବନ୍ଦ କରେ;

ଆଉ, ସେ ଆଲୁଅକୁ ଗୁପ୍ତ ଦ୍ରବ୍ୟ ଆଣେ।

12 ମାତ୍ର ଜ୍ଞାନ କେଉଁଠାରେ ପ୍ରାପ୍ତ ହୁଏ?

ଓ ବୁଦ୍ଧିର ସ୍ଥାନ କାହିଁ?

13 ମନୁଷ୍ୟ ତହିଁର ମୂଲ୍ୟ ଜାଣେ ନାହିଁ;

କିଅବା ଜୀବିତମାନଙ୍କ ଦେଶରେ ତାହା ମିଳେ ନାହିଁ।

14 ବାରିଧି କହେ, ‘ତାହା ମୋʼ ଠାରେ ନାହିଁ;’

ପୁଣି, ସମୁଦ୍ର କହେ, ‘ତାହା ମୋʼ ଠାରେ ନାହିଁ।’

15 ସୁବର୍ଣ୍ଣ ଦ୍ୱାରା ତାହା ପ୍ରାପ୍ତ ହୋଇ ନ ପାରେ,

କିଅବା ତହିଁର ମୂଲ୍ୟାର୍ଥେ ରୂପା ତୌଲା ଯିବ ନାହିଁ।

16 ଓଫୀରର ସୁବର୍ଣ୍ଣ ଦ୍ୱାରା ତହିଁର ମୂଲ୍ୟ କରାଯାଇ ନ ପାରେ,

ବହୁମୂଲ୍ୟ ଗୋମେଦକ ଅବା ନୀଳକାନ୍ତମଣି ଦ୍ୱାରା ନୁହେଁ।

17 ସ୍ୱର୍ଣ୍ଣ ଓ କାଚ ତହିଁର ସମାନ ହୋଇ ନ ପାରେ;

କିଅବା ଶୁଦ୍ଧ ସ୍ୱର୍ଣ୍ଣାଭରଣ ତହିଁର ପରିବର୍ତ୍ତ ହେବ ନାହିଁ।

18 ତହିଁ ନିକଟରେ ପ୍ରବାଳ ଓ ସ୍ପଟିକର କଥା କୁହାଯାଏ ନାହିଁ;

କାରଣ ପଦ୍ମରାଗ ମଣି ଅପେକ୍ଷା ଜ୍ଞାନର ମୂଲ୍ୟ ଅଧିକ।

19 କୂଶଦେଶୀୟ ପୀତମଣି ତହିଁର ସମାନ ହେବ ନାହିଁ,

କିଅବା ନିର୍ମଳ ସୁବର୍ଣ୍ଣରେ ତହିଁର ମୂଲ୍ୟ କରାଯିବ ନାହିଁ।

20 ତେବେ ଜ୍ଞାନ କେଉଁଠାରୁ ଆସେ?

ଓ ବୁଦ୍ଧିର ସ୍ଥାନ କାହିଁ?

21 ତାହା ତ ସମସ୍ତ ପ୍ରାଣୀଙ୍କ ଚକ୍ଷୁରୁ ଗୁପ୍ତ

ଓ ଆକାଶର ପକ୍ଷୀମାନଙ୍କଠାରୁ ଆବୃତ କରାଯାଇଅଛି।

22 ବିନାଶ ଓ ମୃତ୍ୟୁୁ କହନ୍ତି,

‘ଆମ୍ଭେମାନେ ସ୍ୱକର୍ଣ୍ଣରେ ତହିଁର ଜନରବ ଶୁଣିଅଛୁ।’

23 ପରମେଶ୍ୱର ତହିଁର ପଥ ଜାଣନ୍ତି

ଓ ସେ ତହିଁର ସ୍ଥାନ ଜ୍ଞାତ ଅଛନ୍ତି।

24 କାରଣ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅନାଇ

ଓ ସମୁଦାୟ ଆକାଶମଣ୍ଡଳର ଅଧଃସ୍ଥାନ ଦେଖି

25 ବାୟୁର ଓଜନ ନିରୂପଣ କରନ୍ତି

ଓ ପରିମାଣ ଦ୍ୱାରା ଜଳ ପରିମିତ କରନ୍ତି।

26 ଯେତେବେଳେ ସେ ବୃଷ୍ଟିର ନିୟମ ନିରୂପଣ କଲେ

ଓ ମେଘଗର୍ଜ୍ଜନର ବିଦ୍ୟୁତ୍ ପାଇଁ ପଥ ସ୍ଥିର କଲେ;

27 ସେତେବେଳେ ସେ ତାହା ଦେଖିଲେ ଓ ତାହା ପ୍ରଚାର କଲେ;

ସେ ତାହା ସ୍ଥାପନ କଲେ, ଆଉ ତହିଁର ତଦନ୍ତ କଲେ।

28 ପୁଣି, ସେ ମନୁଷ୍ୟକୁ କହିଲେ,

‘ଦେଖ, ପ୍ରଭୁ ବିଷୟକ ଭୟ ହିଁ ଜ୍ଞାନ

ଓ କୁକ୍ରିୟା ତ୍ୟାଗ ହିଁ ବୁଦ୍ଧି।’"

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-18_14-04-22-