Publicidade

Jó 34

ଇଲୀହୂଙ୍କ ପରମେଶ୍ୱରଙ୍କ ନ୍ୟାୟର ଘୋଷଣା

1 ଆହୁରି ଇଲୀହୂ ଉତ୍ତର କରି କହିଲା,

2 "ହେ ଜ୍ଞାନୀମାନେ, ମୋʼ କଥା ଶୁଣ,

ହେ ବିଜ୍ଞମାନେ, ମୋʼ କଥାରେ କର୍ଣ୍ଣ ଦିଅ।

3 କାରଣ ସ୍ୱାଦ ଯେପରି ଭକ୍ଷ୍ୟର ସ୍ୱାଦ ବୁଝେ,

କର୍ଣ୍ଣ ସେପରି ବାକ୍ୟର ପରୀକ୍ଷା କରେ।

4 ଯାହା ଯଥାର୍ଥ, ତାହା ଆମ୍ଭେମାନେ ଆପଣାମାନଙ୍କ ପାଇଁ ମନୋନୀତ କରୁ;

ଯାହା ଭଲ, ତାହା ଆମ୍ଭେମାନେ ଆପଣାମାନଙ୍କ ମଧ୍ୟରେ ନିଶ୍ଚୟ କରୁ।

5 କାରଣ ଆୟୁବ କହିଅଛି, ‘ମୁଁ ଧାର୍ମିକ,

ପୁଣି ପରମେଶ୍ୱର ମୋହର ନ୍ୟାୟ ହରଣ କରିଅଛନ୍ତି;

6 ମୁଁ ନ୍ୟାୟବାନ ହେଲେ ହେଁ ମିଥ୍ୟାବାଦୀ ଗଣିତ ହୋଇଅଛି;

ମୁଁ ଅପରାଧରହିତ ହେଲେ ହେଁ ମୋହର କ୍ଷତି ପ୍ରତିକାରହୀନ।’

7 ଆୟୁବ ପରି କେଉଁ ଲୋକ ଅଛି?

ସେ ଜଳ ପରି ନିନ୍ଦା ପାନ କରେ।

8 ସେ ଅଧର୍ମାଚାରୀମାନଙ୍କ ସଙ୍ଗେ ଯାଏ

ଓ ଦୁଷ୍ଟ ଲୋକମାନଙ୍କ ସଙ୍ଗେ ଗମନାଗମନ କରେ।

9 କାରଣ ସେ କହିଅଛି, ‘ପରମେଶ୍ୱରଙ୍କଠାରେ ଆନନ୍ଦ କଲେ, ମନୁଷ୍ୟର କିଛି ଲାଭ ନାହିଁ।’

10 ହେ ବୁଦ୍ଧିମାନ ଲୋକେ, ମୋʼ କଥା ଶୁଣ;

ପରମେଶ୍ୱର ଯେ ଦୁଷ୍କର୍ମ କରିବେ, ଏହା ତାହାଙ୍କଠାରୁ ଦୂରେ ଥାଉ

ଓ ସର୍ବଶକ୍ତିମାନ ଯେ ଅଧର୍ମ କରିବେ, ଏହା ତାହାଙ୍କଠାରୁ ଦୂରେ ଥାଉ।

11 ମନୁଷ୍ୟର କର୍ମାନୁସାରେ ସେ ତାହାକୁ ଫଳ ଦେବେ

ଓ ପ୍ରତ୍ୟେକ ଲୋକକୁ ତାହାର ଆଚରଣ ପ୍ରମାଣେ ଫଳ ଭୋଗ କରାଇବେ।

12 ନିଶ୍ଚୟ ପରମେଶ୍ୱର ଦୁଷ୍ଟାଚରଣ କରିବେ ନାହିଁ,

ସର୍ବଶକ୍ତିମାନ ବିଚାର ବିପରୀତ କରିବେ ନାହିଁ।

13 କିଏ ତାହାଙ୍କୁ ପୃଥିବୀର କର୍ତ୍ତୃତ୍ୱଭାର ଦେଲା?

ଅବା କିଏ ସମୁଦାୟ ଜଗତର ନିରୂପଣ କରିଅଛି?

14 ଯଦି ସେ ମନୁଷ୍ୟ ଉପରେ ଆପଣା ମନ ଦେବେ,

ଯଦି ସେ ତାହାର ଆତ୍ମା ଓ ନିଶ୍ୱାସ ଆପଣା ନିକଟରେ ସଂଗ୍ରହ କରିବେ;

15 ତେବେ ସକଳ ପ୍ରାଣୀ ଏକତ୍ର ବିନଷ୍ଟ ହେବେ

ଓ ମନୁଷ୍ୟ ପୁନର୍ବାର ଧୂଳିରେ ମିଶିଯିବ।

16 ତୁମ୍ଭର ବିବେଚନା ଥିଲେ, ଏହା ଶୁଣ;

ମୋʼ ବାକ୍ୟର ରବରେ ମନୋଯୋଗ କର।

17 ଯେ ନ୍ୟାୟ ଘୃଣା କରେ, ସେ କି ଶାସନ କରିବ?

ଓ ଯେ ଧାର୍ମିକ ଓ ପରାକ୍ରମୀ, ତାହାଙ୍କୁ କି ତୁମ୍ଭେ ଦୋଷୀ କରିବ?

18 ରାଜାକୁ, ‘ତୁମ୍ଭେ ଅଧମ;’ ଅବା ଅଧିପତିମାନଙ୍କୁ,

‘ତୁମ୍ଭେମାନେ ଦୁଷ୍ଟ’ ବୋଲି କହିବାର କି ଉପଯୁକ୍ତ?

19 ତେବେ ପରମେଶ୍ୱର ଯେ ଅଧିପତିମାନଙ୍କର ମୁଖାପେକ୍ଷା କରନ୍ତି ନାହିଁ,

ଅବା ସମସ୍ତେ ତାହାଙ୍କର ହସ୍ତକୃତ କର୍ମ ହେବାରୁ ଦରିଦ୍ର ଅପେକ୍ଷା ଧନୀକୁ ବିଶେଷ ଜ୍ଞାନ କରନ୍ତି ନାହିଁ,

ତାହାଙ୍କୁ ଏପରି କହିବା କେତେ ଅଧିକ ଅନୁପଯୁକ୍ତ?

20 ସେମାନେ ମୁହୂର୍ତ୍ତକେ, ଅର୍ଦ୍ଧରାତ୍ରରେ ହିଁ ମରନ୍ତି;

ଲୋକମାନେ କମ୍ପିତ ହୋଇ ପ୍ରାଣତ୍ୟାଗ କରନ୍ତି

ଓ ବିକ୍ରମୀ ବିନା ହସ୍ତକ୍ଷେପରେ ଦୂରୀକୃତ ହୁଅନ୍ତି।

21 କାରଣ ମନୁଷ୍ୟର ମାର୍ଗ ପ୍ରତି ପରମେଶ୍ୱରଙ୍କ ଦୃଷ୍ଟି ଅଛି

ଓ ସେ ତାହାର ସବୁ ଗତି ଦେଖନ୍ତି।

22 ଯେଉଁଠାରେ ଅଧର୍ମାଚାରୀଗଣ ଲୁଚି ପାରନ୍ତି,

ଏପରି ଅନ୍ଧକାର ଓ ମୃତ୍ୟୁଚ୍ଛାୟା ନାହିଁ।

23 କାରଣ ମନୁଷ୍ୟର ପରମେଶ୍ୱରଙ୍କ ସାକ୍ଷାତରେ ବିଚାରାର୍ଥେ ଯିବାକୁ ହେବ ବୋଲି

ତାହା ବିଷୟ ଦୀର୍ଘ ବିବେଚନା କରିବାର ତାହାଙ୍କର ଆବଶ୍ୟକ ନାହିଁ।

24 ସେ ଅନୁଦ୍ଦେଶ୍ୟ ଉପାୟରେ ପରାକ୍ରାନ୍ତ ଲୋକମାନଙ୍କୁ ଖଣ୍ଡ ଖଣ୍ଡ କରନ୍ତି

ଓ ସେମାନଙ୍କ ସ୍ଥାନରେ ଅନ୍ୟମାନଙ୍କୁ ସ୍ଥାପନ କରନ୍ତି।

25 ଏହେତୁ ସେ ସେମାନଙ୍କ କର୍ମର ତତ୍ତ୍ୱ ନିଅନ୍ତି;

ପୁଣି, ସେ ରାତ୍ରିରେ ସେମାନଙ୍କୁ ଓଲଟାଇ ପକାନ୍ତି, ତହିଁରେ ସେମାନେ ବିନଷ୍ଟ ହୁଅନ୍ତି।

26 ସେ ଅନ୍ୟମାନଙ୍କ ଦୃଷ୍ଟିଗୋଚରରେ ଦୁଷ୍ଟ ଲୋକଙ୍କୁ ପ୍ରହାର କଲା ପରି ସେମାନଙ୍କୁ ପ୍ରହାର କରନ୍ତି;

27 କାରଣ ସେମାନେ ତାହାଙ୍କ ଅନୁଗମନରୁ ବିମୁଖ ହେଲେ

ଓ ତାହାଙ୍କର କୌଣସି ମାର୍ଗ ଆଦର କରିବାକୁ ଅନିଚ୍ଛୁକ ହେଲେ;

28 ଏହିରୂପେ ସେମାନେ ତାହାଙ୍କ ଛାମୁରେ ଦରିଦ୍ରର କ୍ରନ୍ଦନ ଉପସ୍ଥିତ କରାଇଲେ,

ତହୁଁ ସେ ଦୁଃଖୀର କ୍ରନ୍ଦନ ଶୁଣିଲେ।

29 ସେ ଶାନ୍ତି ଦେଲେ, କିଏ ଦୋଷ ଦେଇ ପାରେ?

ଓ ସେ ଆପଣା ମୁଖ ଆଚ୍ଛାଦନ କଲେ, କିଏ ତାହାଙ୍କୁ ଦେଖି ପାରେ?

ଏହା କୌଣସି ଗୋଷ୍ଠୀ ଅବା କୌଣସି ବ୍ୟକ୍ତି ପ୍ରତି କରାଗଲେ, ଏକ ସମାନ ଥାଏ;

30 ଏଣୁ ଅଧାର୍ମିକ ଲୋକ ରାଜତ୍ୱ କରେ ନାହିଁ,

ଲୋକମାନଙ୍କୁ ଫାନ୍ଦରେ ପକାଇବାକୁ କେହି ନ ଥାଏ।

31 କାରଣ କେହି କି ପରମେଶ୍ୱରଙ୍କୁ କହିଅଛି,

‘ମୁଁ ଶାସ୍ତି ଭୋଗ କରୁଅଛି, ଆଉ ଦୋଷ କରିବି ନାହିଁ;

32 ଯାହା ମୁଁ ଜାଣୁ ନାହିଁ, ତାହା ତୁମ୍ଭେ ମୋତେ ଶିଖାଅ;

ଯଦି ମୁଁ ଅପରାଧ କରିଅଛି, ତେବେ ଆଉ ତାହା କରିବି ନାହିଁ?’

33 ତାହାଙ୍କ ଦତ୍ତ ପ୍ରତିଫଳ କି ତୁମ୍ଭ ଇଚ୍ଛାମତ ହେବ ଯେ, ତୁମ୍ଭେ ତାହା ଅଗ୍ରାହ୍ୟ କରୁଅଛ?

କାରଣ ମନୋନୀତ କରିବାର ତୁମ୍ଭର କର୍ମ, ମୋହର ନୁହେଁ;

ଏଥିପାଇଁ ଯାହା ତୁମ୍ଭେ ଜାଣ, ତାହା କୁହ।

34 ବୁଦ୍ଧିମାନ ଲୋକେ

ଏବଂ ମୋʼ କଥା ଶ୍ରବଣକାରୀ ପ୍ରତ୍ୟେକ ଜ୍ଞାନୀ ଲୋକ ମୋତେ କହିବେ;

35 ‘ଆୟୁବ ନ ଜାଣି କଥା କହେ

ଓ ତାହାର କଥାସବୁ ଜ୍ଞାନବର୍ଜ୍ଜିତ।’

36 ଆୟୁବ ଶେଷ ପର୍ଯ୍ୟନ୍ତ ପରୀକ୍ଷିତ ହେଉ,

କାରଣ ସେ ଦୁଷ୍ଟ ଲୋକମାନଙ୍କ ପରି ଉତ୍ତର ଦେଇଅଛି।

37 ଯେଣୁ ସେ ଆପଣା ପାପରେ ବିଦ୍ରୋହଭାବ ଯୋଗ କରୁଅଛି,

ସେ ଆମ୍ଭମାନଙ୍କ ମଧ୍ୟରେ ହାତତାଳି ଦେଉଅଛି

ଓ ପରମେଶ୍ୱରଙ୍କ ପ୍ରତିକୂଳରେ ଅନେକ କଥା କହୁଅଛି।"

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-18_14-04-22-