ଯୀଶୁଙ୍କ ଜନ୍ମର ପୂର୍ବ ସୂଚନା
26 ଏଲୀଶାବେଥଙ୍କ ଗର୍ଭର ଛଅ ମାସରେ ଗାବ୍ରିଏଲ ଦୂତ ଈଶ୍ବରଙ୍କ ନିକଟରୁ ଗାଲିଲୀର ନାଜରିତ ନାମକ ନଗରକୁ ଜଣେ କନ୍ୟା ନିକଟକୁ ପଠାଗଲେ; 27 ଦାଉଦଙ୍କ ବଂଶର ଯୋଷେଫ ନାମକ ଜଣେ ପୁରୁଷଙ୍କ ସହିତ ତାହାଙ୍କର ବିବାହ ନିର୍ବନ୍ଧ ହୋଇଥିଲା; ସେହି କନ୍ୟାଙ୍କ ନାମ ମରୀୟମ। 28 ସେ ଗୃହରେ ପ୍ରବେଶ କରି ତାହାଙ୍କ ନିକଟକୁ ଆସି କହିଲେ, ଆଗୋ ଅନୁଗ୍ରହପାତ୍ରୀ, ତୁମ୍ଭର ମଙ୍ଗଳ ହେଉ, ପ୍ରଭୁ ତୁମ୍ଭର ସହବର୍ତ୍ତୀ। 29 କିନ୍ତୁ ସେ ଏହି ବାକ୍ୟରେ ଅତିଶୟ ବିଚଳିତ ହୋଇ ଏହା କି ପ୍ରକାର ବାକ୍ୟ ବୋଲି ମନରେ ବିଚାର କରିବାକୁ ଲାଗିଲେ।
30 ସେଥିରେ ଦୂତ ତାହାଙ୍କୁ କହିଲେ, ଆଗୋ ମରୀୟମ, ଭୟ କର ନାହିଁ, କାରଣ ତୁମ୍ଭେ ଈଶ୍ବରଙ୍କ ଛାମୁରେ ଅନୁଗ୍ରହ ପାଇଅଛ। 31 ଆଉ ଦେଖ, ତୁମ୍ଭେ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କରିବ ଓ ତାହାଙ୍କ ନାମ ଯୀଶୁ ଦେବ। 32 ସେ ମହାନ ହେବେ ଓ ମହାନ ଈଶ୍ବରଙ୍କ ପୁତ୍ର ବୋଲି ଖ୍ୟାତ ହେବେ; ପ୍ରଭୁ ଈଶ୍ବର ତାହାଙ୍କୁ ତାହାଙ୍କ ପିତା ଦାଉଦଙ୍କ ସିଂହାସନ ଦାନ କରିବେ, 33 ସେ ଯାକୁବ ବଂଶ ଉପରେ ଯୁଗେ ଯୁଗେ ଶାସନ କରିବେ, ପୁଣି, ତାହାଙ୍କ ରାଜ୍ୟର ଶେଷ ହେବ ନାହିଁ।
34 କିନ୍ତୁ ମରୀୟମ ଦୂତଙ୍କୁ କହିଲେ, ଏହା କିପରି ହେବ? ମୁଁ ତ ପୁରୁଷକୁ ଜାଣେ ନାହିଁ। 35 ଦୂତ ତାହାଙ୍କୁ ଉତ୍ତର ଦେଲେ, ପବିତ୍ର ଆତ୍ମା ତୁମ୍ଭ ଉପରେ ଅବତରଣ କରିବେ ଓ ମହାନ ଈଶ୍ବରଙ୍କ ଶକ୍ତି ତୁମ୍ଭକୁ ଆବୋରିବ, ଏଣୁ ଯେ ଜାତ ହେବେ, ସେ ପବିତ୍ର ଓ ଈଶ୍ବରଙ୍କ ପୁତ୍ର ବୋଲି ଖ୍ୟାତ ହେବେ।
36 ପୁଣି, ଦେଖ, ତୁମ୍ଭର ଆତ୍ମୀୟା ଏଲୀଶାବେଥ ମଧ୍ୟ ବୃଦ୍ଧା ବୟସରେ ଗୋଟିଏ ପୁତ୍ର ଗର୍ଭରେ ଧାରଣ କରିଅଛନ୍ତି। ଯେ ବନ୍ଧ୍ୟା ବୋଲି ଖ୍ୟାତ, ତାଙ୍କର ଏବେ ଛଅ ମାସ ହେଲାଣି; 37 କାରଣ ଈଶ୍ବରଙ୍କଠାରୁ ନିର୍ଗତ କୌଣସି ବାକ୍ୟ ଶକ୍ତିହୀନ ହେବ ନାହିଁ। 38 ଏଥିରେ ମରୀୟମ କହିଲେ, ଦେଖନ୍ତୁ, ମୁଁ ପ୍ରଭୁଙ୍କ ଦାସୀ; ଆପଣଙ୍କ ବାକ୍ୟାନୁସାରେ ମୋʼ ପ୍ରତି ଘଟୁ। ତାହା ପରେ ଦୂତ ତାହାଙ୍କ ନିକଟରୁ ପ୍ରସ୍ଥାନ କଲେ।