ଝଡ଼ ଉପରେ ଅଧିକାର
22 ସେହି ସମୟରେ ଦିନେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଗୋଟିଏ ନୌକାରେ ଚଢ଼ିଲେ, ଆଉ ସେ ସେମାନଙ୍କୁ କହିଲେ, "ଆସ, ହ୍ରଦର ଆରପାରିକୁ ଯିବା।" ସେଥିରେ ସେମାନେ ନୌକା ଫିଟାଇଦେଲେ। 23 କିନ୍ତୁ ସେମାନେ ନୌକା ବାହି ଯାଉଥିବା ସମୟରେ ଯୀଶୁ ଶୋଇପଡ଼ିଥିଲେ। ସେତେବେଳେ ହ୍ରଦରେ ତୋଫାନ ହେଲା, ଆଉ ସେମାନଙ୍କ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା ଓ ସେମାନେ ବିପଦରେ ପଡ଼ିଲେ।
24 ସେଥିରେ ଶିଷ୍ୟମାନେ ନିକଟକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ହେ ଗୁରୁ, ଆମେ ମଲୁ। ଏଥିରେ ସେ ଉଠି ପବନ ଓ ପ୍ରବଳ ତରଙ୍ଗକୁ ଧମକ ଦେଲେ, ଆଉ ସେହିସବୁ ବନ୍ଦ ହୋଇ ସୁସ୍ଥିର ହେଲା। 25 ପୁଣି, ସେ ସେମାନଙ୍କୁ କହିଲେ, "ତୁମ୍ଭମାନଙ୍କର ବିଶ୍ୱାସ କାହିଁ?" କିନ୍ତୁ ସେମାନେ ଭୀତ ଓ ଚକିତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ସେ ବାୟୁ ଓ ଜଳକୁ ସୁଦ୍ଧା ଆଦେଶ ଦିଅନ୍ତେ, ସେମାନେ ତାହାଙ୍କ ଆଜ୍ଞା ମାନନ୍ତି।
ବାହିନୀ ଭୂତଗ୍ରସ୍ତ ଲୋକର ସୁସ୍ଥତା
26 ପରେ ସେମାନେ ଗାଲିଲୀର ସମ୍ମୁଖବର୍ତ୍ତୀ ସେପାରିର ଗରାଶୀୟମାନଙ୍କ ଅଞ୍ଚଳରେ ପହଞ୍ଚିଲେ।