49 ସେ ଏହି କଥା କହୁଥିବା ସମୟରେ ସମାଜଗୃହର ଅଧ୍ୟକ୍ଷଙ୍କ ଘରୁ ଜଣେ ଆସି କହିଲା, ଆପଣଙ୍କ ଝିଅ ମରିଗଲାଣି, ଗୁରୁଙ୍କୁ ଆଉ କଷ୍ଟ ଦିଅନ୍ତୁ ନାହିଁ। 50 କିନ୍ତୁ ଯୀଶୁ ଏହା ଶୁଣି ତାହାଙ୍କୁ ଉତ୍ତର ଦେଲେ, "ଭୟ କର ନାହିଁ କେବଳ ବିଶ୍ୱାସ କର, ଆଉ ସେ ବଞ୍ଚିବ।"
51 ପୁଣି, ସେ ଗୃହକୁ ଆସି ପିତର, ଯୋହନ ଓ ଯାକୁବ, ପୁଣି, ବାଳିକାର ପିତାମାତାଙ୍କ ବିନା ଆଉ କାହାକୁ ଆପଣା ସାଙ୍ଗରେ ଭିତରକୁ ଯିବା ପାଇଁ ଦେଲେ ନାହିଁ। 52 ମାତ୍ର ସମସ୍ତେ ତାହା ପାଇଁ ରୋଦନ କରୁ କରୁ ଛାତିରେ ମାରିହେଉଥିଲେ। ସେଥିରେ ସେ କହିଲେ, "ରୋଦନ କର ନାହିଁ; ସେ ମରି ନାହିଁ, ମାତ୍ର ଶୋଇପଡ଼ିଅଛି।" 53 କିନ୍ତୁ ସେ ମରିଯାଇଅଛି ବୋଲି ଜାଣିଥିବାରୁ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।
54 ମାତ୍ର ସେ ତାହାର ହାତ ଧରି ଡାକି କହିଲେ, "ଆଗୋ ବାଳିକା, ଉଠ।" 55 ସେଥିରେ ତାହାର ଆତ୍ମା ଫେରିଆସିଲା ଆଉ ସେ ସେହିକ୍ଷଣି ଉଠିଲା, ପୁଣି, ସେ ତାହାକୁ କିଛି ଖାଇବାକୁ ଦେବା ପାଇଁ ଆଜ୍ଞା ଦେଲେ। 56 ଏଥିରେ ତାହାର ପିତାମାତା ଆଚମ୍ଭିତ ହେଲେ; କିନ୍ତୁ ସେହି ଘଟଣାର କଥା କାହାକୁ ନ କହିବା ପାଇଁ ସେ ସେମାନଙ୍କୁ ଆଜ୍ଞା ଦେଲେ।