24 ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ ଦେଇ କହିଲେ, "ସ୍ୱର୍ଗରାଜ୍ୟ ଆପଣା କ୍ଷେତରେ ଭଲ ବିହନ ବୁଣାଯାଇଥିବା ଜଣେ ବ୍ୟକ୍ତିଙ୍କ ସଦୃଶ; 25 ମାତ୍ର ଲୋକେ ନିଦ୍ରା ଯାଇଥିବା ସମୟରେ ତାହାଙ୍କ ଶତ୍ରୁ ଆସି ସେହି ଗହମ ମଧ୍ୟରେ ବାଳୁଙ୍ଗା ବୁଣିଦେଇ ଚାଲିଗଲେ। 26 ଯେତେବେଳେ ପତ୍ର ବାହାରି ଫଳ ଫଳିବାକୁ ଲାଗିଲା, ସେତେବେଳେ ବାଳୁଙ୍ଗା ମଧ୍ୟ ଦେଖାଗଲା।
27 ସେଥିରେ ଘରମାଲିକଙ୍କ ଦାସମାନେ ତାହାଙ୍କ ପାଖକୁ ଆସି କହିଲେ, ‘ସାଆନ୍ତେ, ଆପଣ କଅଣ ନିଜ କ୍ଷେତରେ ଭଲ ବିହନ ବୁଣି ନ ଥିଲେ? ତେବେ ବାଳୁଙ୍ଗାଗୁଡ଼ାକ କେଉଁଠାରୁ ହେଲା?’ 28 ସେ ସେମାନଙ୍କୁ କହିଲେ, ‘ଜଣେ ଶତ୍ରୁ ଏହା କରିଅଛି।’ ପୁଣି, ଦାସମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ଯାଇ ସେଗୁଡ଼ାକ ଉପାଡ଼ି ଏକାଠି କରୁ, ଏହା କଅଣ ଆପଣଙ୍କର ଇଚ୍ଛା?
29 କିନ୍ତୁ ସେ କହିଲେ, ‘ନା, କାଳେ ତୁମ୍ଭେମାନେ ବାଳୁଙ୍ଗା ଏକାଠି କରୁ କରୁ ସେଗୁଡ଼ାକ ସାଙ୍ଗରେ ଗହମ ଉପାଡ଼ି ପକାଇବ। 30 ଶସ୍ୟ ନ କାଟିବା ଯାଏ ଦୁହିଁକୁ ଏକାଠି ବଢ଼ିବାକୁ ଛାଡ଼ିଦିଅ, ଆଉ ଶସ୍ୟ କାଟିବା ସମୟରେ ମୁଁ କଟାଳିମାନଙ୍କୁ କହିବି, ପୋଡ଼ିବା ପାଇଁ ଆଗେ ବାଳୁଙ୍ଗା ଏକାଠି କରି ବିଡ଼ା ବାନ୍ଧ, କିନ୍ତୁ ଗହମ ମୋ ଅମାରରେ ସଂଗ୍ରହ କରି ରଖ।’"