ଅନ୍ତିମ ବିଚାର
31 "ମନୁଷ୍ୟପୁତ୍ର ଯେତେବେଳେ ସମସ୍ତ ଦୂତଙ୍କ ସହିତ ସ୍ୱମହିମାରେ ଆସିବେ, ସେତେବେଳେ ସେ ଆପଣା ଗୌରବମୟ ସିଂହାସନରେ ବସିବେ, 32 ପୁଣି, ତାହାଙ୍କ ଛାମୁରେ ସମସ୍ତ ଜାତି ଏକତ୍ର କରାଯିବେ, ଆଉ ମେଷପାଳକ ଛାଗଠାରୁ ମେଷ ପୃଥକ୍ କରି, 33 ମେଷମାନଙ୍କୁ ଆପଣା ଦକ୍ଷିଣ ପାର୍ଶ୍ୱରେ ଓ ଛାଗମାନଙ୍କୁ ବାମ ପାର୍ଶ୍ୱରେ ରଖିବେ। 34 ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ; 35 କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ; ପ୍ରବାସୀ ଥିଲି, ମୋତେ ଅାଶ୍ରୟ ଦେଲ; 36 ଉଲଗ୍ନ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ; ଅସୁସ୍ଥ ଥିଲି, ମୋତେ ଦେଖି ଆସିଲ; କାରାଗାରରେ ଥିଲି; ମୋ ନିକଟକୁ ଆସିଲ। 37 ସେଥିରେ ଧାର୍ମିକମାନେ ତାହାଙ୍କୁ ଉତ୍ତର ଦେବେ, ହେ ପ୍ରଭୁ, କେବେ ଆମ୍ଭେମାନେ ଆପଣଙ୍କୁ କ୍ଷୁଧିତ ଦେଖି ଆହାର ଦେଲୁ? ଅବା ତୃଷିତ ଦେଖି ପାନ କରିବାକୁ ଦେଲୁ? 38 ଆଉ, କେବେ ଆପଣଙ୍କୁ ପ୍ରବାସୀ ଦେଖି ଆଶ୍ରୟ ଦେଲୁ? କିମ୍ବା ଉଲଗ୍ନ ଦେଖି ବସ୍ତ୍ର ପରିଧାନ କରାଇଲୁ? 39 ଆଉ, କେବେ ଆପଣଙ୍କୁ ଅସୁସ୍ଥ ଅବା କାରାଗାରସ୍ଥ ଦେଖି ଆପଣଙ୍କ ନିକଟକୁ ଗଲୁ? 40 ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋ ପ୍ରତି ହିଁ ତାହା କରିଅଛ। 41 ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ, 42 କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ ନାହିଁ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ ନାହିଁ; 43 ପ୍ରବାସୀ ଥିଲି, ମୋତେ ଆଶ୍ରୟ ଦେଲ ନାହିଁ; ଉଲଗ୍ନ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ ନାହିଁ; ଅସୁସ୍ଥ ଓ କାରାଗାରସ୍ଥ ଥିଲି, ମୋତେ ଦେଖିବାକୁ ଆସିଲ ନାହିଁ। 44 ସେଥିରେ ସେମାନେ ମଧ୍ୟ ଉତ୍ତର ଦେବେ, ହେ ପ୍ରଭୁ, କେବେ ଆମ୍ଭେମାନେ ଆପଣଙ୍କୁ କ୍ଷୁଧିତ କି ତୃଷିତ, ପ୍ରବାସୀ କି ଉଲଗ୍ନ, ପୀଡ଼ିତ କି କାରାଗାରସ୍ଥ ଦେଖି ଆପଣଙ୍କର ସେବା କଲୁ ନାହିଁ? 45 ସେଥିରେ ସେ ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରି ନ ଥିବାରୁ ମୋ ପ୍ରତି ହିଁ ତାହା କରି ନାହଁ। 46 ଆଉ, ଏମାନେ ଅନନ୍ତ ଶାସ୍ତି, କିନ୍ତୁ ଧାର୍ମିକମାନେ ଅନନ୍ତ ଜୀବନ ଭୋଗ କରିବାକୁ ଯିବେ।"