ଚିନ୍ତିତ ନ ହୁଅ
25 ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଜୀବନ ନିମନ୍ତେ କଅଣ ଖାଇବ ବା କଅଣ ପିଇବ, କିଅବା କଅଣ ପିନ୍ଧିବ, ଏଭଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ। ଖାଦ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର କି ଶ୍ରେଷ୍ଠ ନୁହେଁ? 26 ଆକାଶର ପକ୍ଷୀମାନଙ୍କୁ ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ କିଅବା ଅମାରରେ ସଞ୍ଚୟ କରନ୍ତି ନାହିଁ, ଆଉ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ସେମାନଙ୍କୁ ଖାଦ୍ୟ ଦିଅନ୍ତି। ତୁମ୍ଭେମାନେ କଅଣ ସେମାନଙ୍କଠାରୁ ଶ୍ରେଷ୍ଠ ନୁହଁ?
27 ପୁଣି, ତୁମ୍ଭମାନଙ୍କ ମଧ୍ୟରେ କିଏ ଚିନ୍ତା କରି କରି ଆପଣା ଆୟୁଷର ଗୋଟିଏ ମୁହୂର୍ତ୍ତ ମଧ୍ୟ ବୃଦ୍ଧି କରିପାରେ? 28 ଆଉ ବସ୍ତ୍ର ନିମନ୍ତେ କାହିଁକି ଚିନ୍ତା କରୁଅଛ? କ୍ଷେତ୍ରର ପୁଷ୍ପଗୁଡ଼ିକ ବିଷୟରେ ଭାବି ଶିକ୍ଷା ଗ୍ରହଣ କର, ସେଗୁଡ଼ିକ କିପରି ବଢ଼ନ୍ତି; ସେ ସବୁ ପରିଶ୍ରମ କରନ୍ତି ନାହିଁ, କିମ୍ବା ସୂତା କାଟନ୍ତି ନାହିଁ, 29 ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ଶଲୋମନ ସୁଦ୍ଧା ଆପଣାର ସମସ୍ତ ଐଶ୍ୱର୍ଯ୍ୟରେ ଏଗୁଡ଼ିକ ମଧ୍ୟରୁ ଗୋଟିକ ପରି ବିଭୂଷିତ ନ ଥିଲେ।
30 କିନ୍ତୁ କ୍ଷେତର ଯେଉଁ ଘାସ ଆଜି ଅଛି, ଆଉ କାଲି ଚୁଲିରେ ପକାଯାଏ, ତାହାକୁ ଯେବେ ଈଶ୍ବର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ୱାସୀମାନେ, ସେ ତୁମ୍ଭମାନଙ୍କୁ କି ଅଧିକ ନିଶ୍ଚିତରୂପେ ବସ୍ତ୍ର ନ ଦେବେ? 31 ଏଣୁ କଅଣ ଖାଇବା? ଅବା କଅଣ ପିଇବା? କିଅବା କଅଣ ପିନ୍ଧିବା? ଏହା କହି ଚିନ୍ତିତ ହୁଅ ନାହିଁ।
32 କାରଣ ଅଣଯିହୁଦୀମାନେ ଏହିସବୁ ବିଷୟ ଖୋଜି ବୁଲନ୍ତି। ଆଉ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ, ତାହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ଜାଣନ୍ତି। 33 କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ। 34 ଅତଏବ କାଲି ପାଇଁ ଚିନ୍ତିତ ହୁଅ ନାହିଁ, କାରଣ କାଲି ନିଜେ ନିଜ ପାଇଁ ଚିନ୍ତା କରିବ। ଆଜିର କଷ୍ଟ ଆଜି ପାଇଁ ଯଥେଷ୍ଟ।