Publicidade

Provérbios 15

1 କୋମଳ ଉତ୍ତର କ୍ରୋଧକୁ ଦମନ କରେ;

ମାତ୍ର କଟୁ ବାକ୍ୟ କୋପ ଜନ୍ମାଏ।

2 ଜ୍ଞାନୀମାନଙ୍କ ଜିହ୍ୱା ପ୍ରକୃତ ରୂପେ ଜ୍ଞାନ ବ୍ୟକ୍ତ କରେ;

ମାତ୍ର ମୂର୍ଖମାନଙ୍କର ମୁଖ ଅଜ୍ଞାନତା ଉଦ୍ଗାର କରେ।

3 ସଦାପ୍ରଭୁଙ୍କ ଚକ୍ଷୁ ସବୁଠାରେ ଥାଇ ଅଧମ

ଓ ଉତ୍ତମ ଲୋକଙ୍କୁ ନିରୀକ୍ଷଣ କରେ।

4 ଶାନ୍ତ ଜିହ୍ୱା ଜୀବନ-ବୃକ୍ଷ ସ୍ୱରୂପ;

ପୁଣି, କୁଟିଳ ଜିହ୍ୱା ଆତ୍ମା ଭଙ୍ଗ କରେ।

5 ଅଜ୍ଞାନ ଆପଣା ପିତାର ଶାସନ ହେଳା କରେ;

ପୁଣି, ଅନୁଯୋଗ ଯେ ଘେନେ, ସେ ବୁଦ୍ଧି ପ୍ରାପ୍ତ ହୁଏ।

6 ଧାର୍ମିକର ଗୃହରେ ବହୁ ସମ୍ପତ୍ତି ଥାଏ;

ପୁଣି, ଦୁଷ୍ଟର ଆୟରେ କ୍ଳେଶ ଥାଏ।

7 ଜ୍ଞାନବାନ‍ର ଓଷ୍ଠାଧର ବିଦ୍ୟା ବିତରଣ କରେ;

ମାତ୍ର ମୂର୍ଖର ମନ ସେପରି କରେ ନାହିଁ।

8 ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ;

ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର।

9 ଦୁଷ୍ଟର ଗତି ସଦାପ୍ରଭୁଙ୍କର ଘୃଣାର ବିଷୟ;

ମାତ୍ର ଧାର୍ମିକତାର ଅନୁଗାମୀକୁ ସେ ପ୍ରେମ କରନ୍ତି।

10 ବିପଥଗାମୀ ପ୍ରତି ଦୁଃଖଦାୟକ ଶାସ୍ତି ଘଟେ;

ପୁଣି, ଯେଉଁ ଲୋକ ଅନୁଯୋଗ ଘୃଣା କରେ, ସେ ମରିବ।

11 ପାତାଳ ଓ ବିନାଶ ସ୍ଥାନ ସଦାପ୍ରଭୁଙ୍କ ଅଗ୍ରବର୍ତ୍ତୀ ଥାଏ;

ତେବେ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ କି ତତୋଧିକ ନୁହେଁ?

12 ନିନ୍ଦକ ଅନୁଯୋଗ ପାଇବାକୁ ଭଲ ପାଏ ନାହିଁ,

ସେ ଜ୍ଞାନୀର ନିକଟକୁ ଯାଏ ନାହିଁ।

13 ଆନନ୍ଦିତ ମନ ମୁଖକୁ ପ୍ରଫୁଲ୍ଲ କରେ;

ପୁଣି, ମନର ଶୋକରେ ଆତ୍ମା ଭଗ୍ନ ହୁଏ।

14 ବୁଦ୍ଧିମାନର ମନ ଜ୍ଞାନ ଖୋଜେ;

ମାତ୍ର ମୂର୍ଖମାନଙ୍କ ମୁଖ ଅଜ୍ଞାନତା ଆହାର କରେ।

15 ଦୁଃଖୀ ଲୋକର ସବୁ ଦିନ ଅମଙ୍ଗଳ;

ମାତ୍ର ଯେ ହୃଷ୍ଟଚିତ୍ତ, ତାହାର ନିତ୍ୟ ଭୋଜ।

16 ଅଶାନ୍ତିଯୁକ୍ତ ବହୁ ସମ୍ପତ୍ତି ଅପେକ୍ଷା

ସଦାପ୍ରଭୁଙ୍କ ଭୟଯୁକ୍ତ ଅଳ୍ପତା ଭଲ।

17 ହିଂସା ସହିତ ହୃଷ୍ଟପୁଷ୍ଟ ଗୋମାଂସ ଭୋଜ ଅପେକ୍ଷା

ପ୍ରେମ ଥିବା ସ୍ଥାନରେ ଶାକାନ୍ନ ଭଲ।

18 କ୍ରୋଧୀ ଲୋକ କଳି ଜନ୍ମାଏ;

ପୁଣି, କୋପ କରିବାକୁ ଧୀର ଲୋକ ବିବାଦ କ୍ଷାନ୍ତ କରେ।

19 ଅଳସର ବାଟ କଣ୍ଟାବାଡ଼ ପରି,

ମାତ୍ର ସରଳାଚାରୀର ପଥ ରାଜଦାଣ୍ଡ ତୁଲ୍ୟ କରାଯାଏ।

20 ଜ୍ଞାନୀ ପୁତ୍ର ପିତାର ଆହ୍ଲାଦ ଜନ୍ମାଏ;

ମାତ୍ର ମୂର୍ଖ ପୁତ୍ର ଆପଣା ମାତାକୁ ତୁଚ୍ଛ କରେ।

21 ନିର୍ବୋଧ ପ୍ରତି ଅଜ୍ଞାନତା ଆନନ୍ଦଜନକ;

ମାତ୍ର ବୁଦ୍ଧିମାନ ଲୋକ ଆପଣା ଗତି ସରଳ କରେ।

22 ମନ୍ତ୍ରଣା ଅଭାବରେ ସଂକଳ୍ପ ବିଫଳ ହୁଏ;

ମାତ୍ର ବହୁତ ମନ୍ତ୍ରୀ ଦ୍ୱାରା ତାହା ସ୍ଥିରୀକୃତ ହୁଏ।

23 ଆପଣା ମୁଖର ଉତ୍ତରରେ ମନୁଷ୍ୟର ଆନନ୍ଦ ହୁଏ,

ପୁଣି ଯଥାକାଳର କଥା କିପରି ଉତ୍ତମ!

24 ନୀଚସ୍ଥିତ ପାତାଳକୁ ତ୍ୟାଗ କରିବା ପାଇଁ

ବୁଦ୍ଧିମାନ ଲୋକ ନିମନ୍ତେ ଜୀବନର ପଥ ଊର୍ଦ୍ଧ୍ୱଗାମୀ।

25 ଗର୍ବୀ ଲୋକର ଗୃହ ସଦାପ୍ରଭୁ ଉପାଡ଼ି ପକାଇବେ;

ମାତ୍ର ବିଧବାର ସୀମା ସେ ସ୍ଥିର କରିବେ;

26 କୁସଂକଳ୍ପ ସଦାପ୍ରଭୁଙ୍କ ନିକଟରେ ଘୃଣାର ବିଷୟ;

ମାତ୍ର ମନୋହର କଥା ଶୁଚି।

27 ଲୋଭୀ ଆପଣା ପରିଜନକୁ ଦୁଃଖ ଦିଏ,

ମାତ୍ର ଯେଉଁ ଲୋକ ଲାଞ୍ଚ ଘୃଣା କରେ, ସେ ବଞ୍ଚିବ।

28 ଧାର୍ମିକର ମନ ବିବେଚନା କରି ଉତ୍ତର ଦିଏ;

ମାତ୍ର ଦୁଷ୍ଟମାନଙ୍କ ମୁଖ ମନ୍ଦ କଥା ଢାଳି ପକାଏ।

29 ସଦାପ୍ରଭୁ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଆନ୍ତି;

ପୁଣି, ଧାର୍ମିକମାନଙ୍କର ପ୍ରାର୍ଥନା ସେ ଶୁଣନ୍ତି।

30 ଚକ୍ଷୁର ଦୀପ୍ତି ମନକୁ ଆନନ୍ଦିତ କରେ;

ପୁଣି, ଉତ୍ତମ ସମାଚାର ହାଡ଼ର ପୁଷ୍ଟି କରେ।

31 ଯେଉଁ କର୍ଣ୍ଣ ଜୀବନଦାୟକ ଅନୁଯୋଗ ଶୁଣେ,

ତାହା ଜ୍ଞାନୀମାନଙ୍କ ମଧ୍ୟରେ ବାସ କରେ।

32 ଯେଉଁ ଲୋକ ଶାସନ ଅଗ୍ରାହ୍ୟ କରେ, ସେ ଆପଣା ପ୍ରାଣକୁ ତୁଚ୍ଛ କରେ;

ମାତ୍ର ଅନୁଯୋଗ ଯେ ଶୁଣେ, ସେ ବୁଦ୍ଧି ପାଏ।

33 ସଦାପ୍ରଭୁ ବିଷୟକ ଭୟ ଜ୍ଞାନଜନକ ଉପଦେଶ;

ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖରେ ଥାଏ।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-18_14-04-22-