1 ଯେ ଆପଣାକୁ ଅନ୍ୟଠାରୁ ପୃଥକ କରେ, ସେ ଆପଣା ଇଷ୍ଟ ଚେଷ୍ଟା କରେ
ଓ ସର୍ବପ୍ରକାର ତତ୍ତ୍ୱଜ୍ଞାନ ବିରୁଦ୍ଧରେ କନ୍ଦଳ କରେ।
2 ମୂର୍ଖ ଲୋକ ବୁଦ୍ଧିରେ ସନ୍ତୋଷ ପାଏ ନାହିଁ,
କେବଳ ଆପଣା ମନର କଥା ପ୍ରକାଶ କରିବାରେ ସନ୍ତୋଷ ପାଏ।
3 ଦୁଷ୍ଟ ଆସିଲେ ଅବଜ୍ଞା ଆସେ,
ପୁଣି, ଅପମାନ ସଙ୍ଗେ ଦୁର୍ନାମ ଆସେ।
4 ମନୁଷ୍ୟର ମୁଖର ବାକ୍ୟ ଗଭୀର ଜଳ ତୁଲ୍ୟ,
ପୁଣି, ଜ୍ଞାନର ଉତ୍ପତ୍ତି ସ୍ଥାନ ଜଳସ୍ରୋତ ସଦୃଶ।
5 ଦୁଷ୍ଟର ମୁଖାପେକ୍ଷା କରିବାର
ଅବା ବିଚାରରେ ଧାର୍ମିକ ପ୍ରତି ଅନ୍ୟାୟ କରିବାର ଭଲ ନୁହେଁ।
6 ମୂର୍ଖର ଓଷ୍ଠ ବିବାଦରେ ପ୍ରବର୍ତ୍ତେ,
ପୁଣି, ତାହାର ମୁଖ ମାଡ଼ ଖାଇବାକୁ ଡାକେ।
7 ମୂର୍ଖର ମୁଖ ତାହାର ବିନାଶର କାରଣ,
ପୁଣି, ତାହାର ଓଷ୍ଠ ଆପଣା ପ୍ରାଣର ଫାନ୍ଦ ସ୍ୱରୂପ।
8 କାନେ କାନେ କହିବା ଲୋକର ବାକ୍ୟ ଅମୃତ ତୁଲ୍ୟ,
ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ।
9 ଆପଣା କାର୍ଯ୍ୟରେ ଯେ ଅଳସ,
ସେ ବିନାଶ କର ଭାଇ।
10 ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼;
ଧାର୍ମିକ ଲୋକ ତହିଁକୁ ପଳାଇ ରକ୍ଷା ପାଏ।
11 ଧନବାନର ଧନ ତାହାର ଦୃଢ଼ ନଗର,
ପୁଣି, ତାହାର ବୋଧରେ ଉଚ୍ଚ ପ୍ରାଚୀର ସ୍ୱରୂପ।
12 ବିନାଶ ସମ୍ମୁଖରେ ମନୁଷ୍ୟର ମନ ଗର୍ବିତ ହୁଏ,
ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ।
13 ଯେ ଶୁଣିବା ପୂର୍ବେ ଉତ୍ତର କରେ,
ତାହା ତାହାର ପ୍ରତି ଅଜ୍ଞାନତା ଓ ଲଜ୍ଜା।
14 ମନୁଷ୍ୟର ଆତ୍ମା ତାହାର ବ୍ୟଥା ସମ୍ଭାଳି ପାରେ;
ମାତ୍ର ଭଗ୍ନ ଆତ୍ମାକୁ କିଏ ସହିପାରେ?