Publicidade

Salmos 132

ମନ୍ଦିରର ପ୍ରଶଂସା
ଆରୋହଣ ଗୀତ।

1 ହେ ସଦାପ୍ରଭୋ, ଦାଉଦ ପକ୍ଷରେ

ତାହାର ସକଳ କ୍ଳେଶ ସ୍ମରଣ କର;

2 ସେ କିପ୍ରକାରେ ସଦାପ୍ରଭୁଙ୍କ ନିକଟରେ ଶପଥ କଲା,

ଆଉ ଯାକୁବର ବଳଦାତାଙ୍କ ନିକଟରେ ମାନତ କରି କହିଲା;

3 "ମୁଁ ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନିମନ୍ତେ ଏକ ସ୍ଥାନ

ଓ ଯାକୁବର ବଳଦାତାଙ୍କ ନିମନ୍ତେ ଏକ ଆବାସ ପ୍ରାପ୍ତ ନ ହୁଏ,

4 ସେପର୍ଯ୍ୟନ୍ତ ମୁଁ ନିଶ୍ଚୟ ଆପଣା ଗୃହ-ତମ୍ବୁରେ ପ୍ରବେଶ କରିବି ନାହିଁ,

କିଅବା ଆପଣା ଶଯ୍ୟା ଉପରକୁ ଯିବି ନାହିଁ।

5 ମୁଁ ଆପଣା ଚକ୍ଷୁକୁ ନିଦ୍ରା ଦେବି ନାହିଁ,

ଅବା ଆପଣା ଚକ୍ଷୁପତାକୁ ଘୁମାଇବାକୁ ଦେବି ନାହିଁ।"

6 ଦେଖ, ଆମ୍ଭେମାନେ ଇଫ୍ରାଥାରେ ଏ ବିଷୟ ଶୁଣିଲୁ;

ଆମ୍ଭେମାନେ ବନସ୍ଥ କ୍ଷେତ୍ରରେ ତାହା ପ୍ରାପ୍ତ ହେଲୁ।

7 ଆମ୍ଭେମାନେ ସଦାପ୍ରଭୁଙ୍କ ଆବାସକୁ ଯିବା;

ଆମ୍ଭେମାନେ ତାହାଙ୍କ ପାଦପୀଠରେ ପ୍ରଣାମ କରିବା।

8 ହେ ସଦାପ୍ରଭୋ, ଉଠ, ତୁମ୍ଭେ ସ୍ୱପରାକ୍ରମର ସିନ୍ଦୁକ ସହିତ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର।

9 ତୁମ୍ଭର ଯାଜକମାନେ ଧର୍ମରୂପ ବସ୍ତ୍ର ପରିହିତ ହେଉନ୍ତୁ;

ପୁଣି, ତୁମ୍ଭ ସଦ୍‍ଭକ୍ତମାନେ ଆନନ୍ଦଧ୍ୱନି କରନ୍ତୁ।

10 ତୁମ୍ଭ ଦାସ ଦାଉଦ ସକାଶୁ ଆପଣା ଅଭିଷିକ୍ତଙ୍କ

ମୁଖ ଫେରାଇ ଦିଅ ନାହିଁ।

11 ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି;

ସେ ତହିଁରୁ ଫେରିବେ ନାହିଁ।

"ଆମ୍ଭେ ତୁମ୍ଭ ତନୁଜାତ ଫଳକୁ ତୁମ୍ଭ ସିଂହାସନରେ ବସାଇବା।

12 ଯଦି ତୁମ୍ଭ ସନ୍ତାନଗଣ ଆମ୍ଭ ନିୟମ

ଓ ଆମ୍ଭେ ସେମାନଙ୍କୁ ଯେଉଁ ପ୍ରମାଣ-ବାକ୍ୟ ଶିଖାଇବା, ତାହା ପାଳନ କରିବେ,

ତେବେ ସେମାନଙ୍କ ସନ୍ତାନଗଣ ହିଁ ସଦାକାଳ ତୁମ୍ଭ ସିଂହାସନରେ ବସିବେ।"

13 କାରଣ ସଦାପ୍ରଭୁ ସିୟୋନକୁ ମନୋନୀତ କରିଅଛନ୍ତି;

ସେ ଆପଣା ନିବାସ ନିମନ୍ତେ ତାହା ବାଞ୍ଛା କରିଅଛନ୍ତି।

14 "ଏହା ଚିରକାଳ ଆମ୍ଭର ବିଶ୍ରାମ-ସ୍ଥାନ ଅଟେ;

ଏଠାରେ ଆମ୍ଭେ ବାସ କରିବା; କାରଣ ଆମ୍ଭେ ତାହା ବାଞ୍ଛା କରିଅଛୁ।

15 ଆମ୍ଭେ ତାହାର ଭକ୍ଷ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା;

ଆମ୍ଭେ ତାହାର ଦରିଦ୍ରଗଣକୁ ଅନ୍ନ ଦେଇ ତୃପ୍ତ କରିବା।

16 ଆମ୍ଭେ ତାହାର ଯାଜକଗଣକୁ ହିଁ ତ୍ରାଣ ରୂପ ବସ୍ତ୍ର ପିନ୍ଧାଇବା

ଓ ତାହାର ସଦ୍‍ଭକ୍ତମାନେ ଆନନ୍ଦରେ ଉଚ୍ଚଧ୍ୱନି କରିବେ।

17 ସେଠାରେ ଆମ୍ଭେ ଦାଉଦର ଶୃଙ୍ଗ ଅଙ୍କୁରିତ କରିବା;

ଆମ୍ଭେ ଆପଣା ଅଭିଷିକ୍ତଙ୍କ ପାଇଁ ଏକ ପ୍ରଦୀପ ନିରୂପଣ କରିଅଛୁ।

18 ତାହାଙ୍କ ଶତ୍ରୁଗଣକୁ ଆମ୍ଭେ ଲଜ୍ଜାରୂପ ବସ୍ତ୍ର ପିନ୍ଧାଇବା;

ମାତ୍ର ତାହାଙ୍କ ରାଜ୍ୟ ଉନ୍ନତି ହେବ।"

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-18_12-43-22-