Publicidade

Salmos 19

ସୃଷ୍ଟିରେ ସଦାପ୍ରଭୁଙ୍କ ମହିମା
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।

1 ଆକାଶମଣ୍ଡଳ ପରମେଶ୍ୱରଙ୍କ ଗୌରବ ବର୍ଣ୍ଣନା କରେ;

ଶୂନ୍ୟମଣ୍ଡଳ ତାହାଙ୍କ ହସ୍ତକୃତ କର୍ମ ପ୍ରକାଶ କରେ।

2 ଦିବସ ଦିବସ ପ୍ରତି ବାକ୍ୟ ଉଚ୍ଚାରଣ କରେ

ଓ ରାତ୍ରି ରାତ୍ରି ପ୍ରତି ଜ୍ଞାନ ପ୍ରକାଶ କରେ।

3 କୌଣସି ବାକ୍ୟ କି ଭାଷା ନ ଥାଏ;

ସେମାନଙ୍କ ରବ ଶୁଣାଯାଇ ନ ପାରେ।

4 ତଥାପି ସେମାନଙ୍କର ରଜ୍ଜୁ ସମୁଦାୟ ପୃଥିବୀରେ

ଓ ସେମାନଙ୍କର ବାକ୍ୟ ଜଗତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ।

ସେମାନଙ୍କ ମଧ୍ୟରେ ସେ ସୂର୍ଯ୍ୟ ନିମନ୍ତେ ଏକ ଆବାସ ସ୍ଥାପନ କରିଅଛନ୍ତି,

5 ସେ ଆପଣା ଅନ୍ତଃପୁରରୁ ବାହାରି ଆସିବା ବର ତୁଲ୍ୟ

ଓ ସେ ଆପଣା ପଥରେ ଦୌଡ଼ିବା ପାଇଁ ବୀର ତୁଲ୍ୟ ଆନନ୍ଦ କରେ।

6 ଆକାଶମଣ୍ଡଳର ପ୍ରାନ୍ତରୁ ତାହାର ଉଦୟ

ଓ ତହିଁର ଅନ୍ୟ ପ୍ରାନ୍ତ ପର୍ଯ୍ୟନ୍ତ ତାହାର ଭ୍ରମଣ ହୁଅଇ;

ପୁଣି, ତାହାର ଉତ୍ତାପରୁ କୌଣସି ବସ୍ତୁ ଗୁପ୍ତ ନ ଥାଏ।

ସଦାପ୍ରଭୁଙ୍କ ବ୍ୟବସ୍ଥା

7 ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ୱାସ୍ଥ୍ୟଜନକ;

ସଦାପ୍ରଭୁଙ୍କ ପ୍ରମାଣ-ବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ

8 ସଦାପ୍ରଭୁଙ୍କର ବିଧିସବୁ ଯଥାର୍ଥ, ଚିତ୍ତର ଆନନ୍ଦଜନକ;

ସଦାପ୍ରଭୁଙ୍କର ଆଜ୍ଞା ନିର୍ମଳ, ଚକ୍ଷୁର ଦୀପ୍ତିଦାୟକ।

9 ସଦାପ୍ରଭୁଙ୍କ ଭୟ ଶୁଚି, ସଦାକାଳସ୍ଥାୟୀ।

ସଦାପ୍ରଭୁଙ୍କ ଶାସନସକଳ ସତ୍ୟ ଓ ସର୍ବତୋଭାବେ ନ୍ୟାଯ୍ୟ।

10 ତାହାସବୁ ସୁବର୍ଣ୍ଣ ଓ ପ୍ରଚୁର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ବାଞ୍ଛନୀୟ;

ଆଉ, ମଧୁ ଓ ମଧୁଚାକଠାରୁ ସୁମିଷ୍ଟ।

11 ଆହୁରି, ତଦ୍ଦ୍ୱାରା ତୁମ୍ଭ ଦାସ ଚେତନା ପାଏ;

ତହିଁର ପ୍ରତିପାଳନରେ ମହାଫଳ ଥାଏ।

12 ଆପଣା ଭ୍ରାନ୍ତିସବୁ କିଏ ବୁଝିପାରେ?

ତୁମ୍ଭେ ଗୁପ୍ତଦୋଷରୁ ମୋତେ ପରିଷ୍କାର କର।

13 ଦୁଃସାହସଜନିତ ସବୁ ପାପରୁ ହିଁ ଆପଣା ଦାସକୁ ଅଟକାଇ ରଖ;

ତାହାସବୁ ମୋʼ ଉପରେ କର୍ତ୍ତୃତ୍ୱ ନ କରୁ;

ତହିଁରେ ମୁଁ ସିଦ୍ଧ ହେବି, ପୁଣି, ମହାପରାଧରୁ ପରିଷ୍କୃତ ହେବି।

14 ହେ ସଦାପ୍ରଭୋ, ମୋହର ଶୈଳ ଓ ମୋହର ମୁକ୍ତିକର୍ତ୍ତା,

ତୁମ୍ଭ ଦୃଷ୍ଟିରେ ମୋʼ ମୁଖର ବାକ୍ୟ

ଓ ମୋʼ ଅନ୍ତଃକରଣର ଧ୍ୟାନ ସୁଗ୍ରାହ୍ୟ ହେଉ।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-15_21-32-39-