Publicidade

Salmos 2

ସଦାପ୍ରଭୁଙ୍କ ମନୋନୀତ ରାଜା

1 ଗୋଷ୍ଠୀୟମାନେ କାହିଁକି କଳହ କରନ୍ତି;

ଜନବୃନ୍ଦ କାହିଁକି ବୃଥାରେ ଷଡ଼ଯନ୍ତ୍ର କରନ୍ତି?

2 ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତ ବ୍ୟକ୍ତିଙ୍କ

ବିରୁଦ୍ଧରେ ଭୂପତିଗଣ ଠିଆ ହୁଅନ୍ତି

ଓ ଶାସନକର୍ତ୍ତୃଗଣ ଏକତ୍ର ମନ୍ତ୍ରଣା କରନ୍ତି,

3 "ଆସ, ଆମ୍ଭେମାନେ ସେମାନଙ୍କ ବନ୍ଧନ ଛିଣ୍ଡାଇ ପକାଉ

ଓ ଆମ୍ଭମାନଙ୍କ ନିକଟରୁ ସେମାନଙ୍କ ରଜ୍ଜୁ ଦୂର କରିଦେଉ।"

4 ଯେ ସ୍ୱର୍ଗରେ ଉପବିଷ୍ଟ, ସେ ହସିବେ;

ପ୍ରଭୁ ସେମାନଙ୍କୁ ପରିହାସ କରିବେ।

5 ତହୁଁ ସେ ଆପଣା କୋପରେ ସେମାନଙ୍କୁ କଥା କହିବେ

ଓ ଆପଣା ମହାକୋପରେ ସେମାନଙ୍କୁ ବ୍ୟାକୁଳ କରିବେ;

6 "ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ

ସିୟୋନରେ ସ୍ଥାପନ କରିଅଛି।"

7 ମୁଁ ସେହି ବିଧାନ ପ୍ରଚାର କରିବି;

ସଦାପ୍ରଭୁ ମୋତେ କହିଲେ, "ତୁମ୍ଭେ ଆମ୍ଭର ପୁତ୍ର;

ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ।

8 ଆମ୍ଭ ନିକଟରେ ମାଗ, ତେବେ ଆମ୍ଭେ ତୁମ୍ଭର

ଉତ୍ତରାଧିକାର ନିମନ୍ତେ ଗୋଷ୍ଠୀୟମାନଙ୍କୁ ଓ ତୁମ୍ଭର ଅଧିକାର

ନିମନ୍ତେ ପୃଥିବୀର ପ୍ରାନ୍ତଭାଗସବୁ ତୁମ୍ଭକୁ ଦେବା।

9 ତୁମ୍ଭେ ଲୌହ ଦଣ୍ଡରେ ସେମାନଙ୍କୁ ଭାଙ୍ଗିବ;

ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ।"

10 ଏହି କାରଣରୁ, ହେ ରାଜାଗଣ, ତୁମ୍ଭେମାନେ ଏବେ ଜ୍ଞାନବାନ

ହୁଅ, ହେ ପୃଥିବୀର ବିଚାରକର୍ତ୍ତୃଗଣ, ତୁମ୍ଭେମାନେ ଶିକ୍ଷା ଗ୍ରହଣ କର।

11 ଭୟରେ ସଦାପ୍ରଭୁଙ୍କର ସେବା କର ଓ କମ୍ପିତ ହୋଇ ଉଲ୍ଲାସ କର।

12 ପୁତ୍ରଙ୍କୁ ଚୁମ୍ବନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ,

କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେବ।

ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେସମସ୍ତେ ଧନ୍ୟ।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-15_21-32-39-