Publicidade

Salmos 29

ସଦାପ୍ରଭୁଙ୍କ ରବର ପରାକ୍ରମ
ଦାଉଦଙ୍କର ଗୀତ।

1 ହେ ବିକ୍ରମୀ-ସନ୍ତାନଗଣ, ସଦାପ୍ରଭୁଙ୍କର କୀର୍ତ୍ତନ କର,

ସଦାପ୍ରଭୁଙ୍କର ଗୌରବ ଓ ପରାକ୍ରମ କୀର୍ତ୍ତନ କର।

2 ସଦାପ୍ରଭୁଙ୍କ ନାମର ଗୌରବ କୀର୍ତ୍ତନ କର;

ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କୁ ପ୍ରଣାମ କର।

3 ଜଳରାଶି ଉପରେ ସଦାପ୍ରଭୁଙ୍କର ରବ ଅଛି;

ଗୌରବମୟ ପରମେଶ୍ୱର ବଜ୍ରନାଦ କରନ୍ତି,

ସଦାପ୍ରଭୁ ଅପାର ଜଳରାଶି ଉପରେ ବିଦ୍ୟମାନ।

4 ସଦାପ୍ରଭୁଙ୍କ ରବ ଶକ୍ତିବିଶିଷ୍ଟ;

ସଦାପ୍ରଭୁଙ୍କ ରବ ପ୍ରତାପପୂର୍ଣ୍ଣ।

5 ସଦାପ୍ରଭୁଙ୍କ ରବ ଏରସ ବୃକ୍ଷମାନ ଭାଙ୍ଗି ପକାଏ;

ହଁ, ସଦାପ୍ରଭୁ ଲିବାନୋନର ଏରସ ବୃକ୍ଷସବୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାନ୍ତି।

6 ମଧ୍ୟ ସେ ସେମାନଙ୍କୁ ଗୋବତ୍ସ ପରି;

ଲିବାନୋନ ଓ ସିରିୟୋନକୁ ଅରଣା ଛୁଆ ପରି ନଚାନ୍ତି।

7 ସଦାପ୍ରଭୁଙ୍କ ରବ ଅଗ୍ନିଶିଖା ବିଭକ୍ତ କରେ।

8 ସଦାପ୍ରଭୁଙ୍କ ରବ ପ୍ରାନ୍ତରକୁ କମ୍ପିତ କରେ;

ସଦାପ୍ରଭୁ କାଦେଶର ପ୍ରାନ୍ତରକୁ କମ୍ପିତ କରନ୍ତି।

9 ସଦାପ୍ରଭୁଙ୍କ ରବ ହରିଣୀମାନଙ୍କୁ ପ୍ରସବ କରାଏ

ଓ ବନସମୂହକୁ ବିବସ୍ତ୍ର କରେ;

ପୁଣି, ତାହାଙ୍କ ମନ୍ଦିରରେ ସମସ୍ତ ବିଷୟ "ଗୌରବ, ଗୌରବ" ବୋଲି କହନ୍ତି।

10 ସଦାପ୍ରଭୁ ଜଳପ୍ଲାବନରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ;

ହଁ, ସଦାପ୍ରଭୁ ଅନନ୍ତକାଳ ରାଜା ତୁଲ୍ୟ ଉପବିଷ୍ଟ ଅଟନ୍ତି।

11 ସଦାପ୍ରଭୁ ଆପଣା ଲୋକମାନଙ୍କୁ ବଳ ଦେବେ;

ସଦାପ୍ରଭୁ ଆପଣା ଲୋକମାନଙ୍କୁ ଶାନ୍ତି ଦେଇ ଆଶୀର୍ବାଦ କରିବେ।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-15_21-32-39-