Publicidade

Salmos 42

ନିର୍ବାସିତର ପ୍ରାର୍ଥନା (୧)
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ମସ୍କୀଲ୍‍ (ପ୍ରବୋଧନ)।

1 ହରିଣୀ ଯେପରି ଜଳସ୍ରୋତ ପାଇଁ ଧକାଏ,

ସେହିପରି ହେ ପରମେଶ୍ୱର, ମୋʼ ପ୍ରାଣ ତୁମ୍ଭ ପାଇଁ ଧକାଏ।

2 ପରମେଶ୍ୱରଙ୍କ ନିମନ୍ତେ, ଜୀବିତ ପରମେଶ୍ୱରଙ୍କ ନିମନ୍ତେ ମୋʼ ପ୍ରାଣ ତୃଷିତ;

ମୁଁ କେବେ ଆସି ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବି?

3 ମୋହର ଲୋତକ ଦିବାରାତ୍ର ମୋହର ଭକ୍ଷ୍ୟ ହୋଇଅଛି,

କାରଣ ଲୋକମାନେ ନିତ୍ୟ ମୋତେ କହନ୍ତି, "ତୁମ୍ଭର ପରମେଶ୍ୱର କାହାନ୍ତି?"

4 ମୁଁ କିପରି ଲୋକସମୂହ ସହିତ ଯାତ୍ରା କଲି,

ପୁଣି, ଆନନ୍ଦ ଓ ପ୍ରଶଂସାଧ୍ୱନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ୱରଙ୍କ ଗୃହକୁ ଘେନିଗଲି,

ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି।

5 ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ?

ତୁ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛୁ?

ପରମେଶ୍ୱରଙ୍କଠାରେ ଭରସା ରଖ;

କାରଣ ମୁଁ ତାହାଙ୍କ ପ୍ରସନ୍ନତାର ସାହାଯ୍ୟ ସକାଶୁ ପୁନର୍ବାର

ତାହାଙ୍କର ପ୍ରଶଂସା କରିବି।

6 ହେ ମୋହର ପରମେଶ୍ୱର, ମୋହର ପ୍ରାଣ ମୋʼ

ଅନ୍ତରରେ ଶୋକାକୁଳ ହେଉଅଛି;

ଏଥିପାଇଁ ମୁଁ ଯର୍ଦ୍ଦନ ଦେଶରୁ, ପୁଣି, ହର୍ମୋଣ

ଓ ମିତ୍‍ସୀୟର ପର୍ବତରୁ ତୁମ୍ଭକୁ ସ୍ମରଣ କରୁଅଛି।

7 ତୁମ୍ଭ ନିର୍ଝର ସମୂହର ଶବ୍ଦରେ ଏକ ଗଭୀର ଅନ୍ୟ ଗଭୀରକୁ ଡାକଇ,

ତୁମ୍ଭର ଢେଉ ଓ ତରଙ୍ଗସବୁ ମୋʼ ଉପରେ ଯାଇଅଛି।

8 ତଥାପି ସଦାପ୍ରଭୁ ଦିନ ବେଳେ ଆପଣା ସ୍ନେହପୂର୍ଣ୍ଣ କରୁଣା ଆଜ୍ଞା କରିବେ,

ପୁଣି, ରାତ୍ରିକାଳେ ତାହାଙ୍କ ଗୁଣଗାନ ଓ ଆମ୍ଭ

ଜୀବନଦାତା ପରମେଶ୍ୱରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ ହେବ।

9 ମୁଁ ଆପଣା ଶୈଳ ସ୍ୱରୂପ ପରମେଶ୍ୱରଙ୍କୁ କହିବି,

"ତୁମ୍ଭେ କାହିଁକି ମୋତେ ପାସୋରିଅଛ?

ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ହେତୁ ଶୋକ କରି ବୁଲୁଅଛି?"

10 ମୋʼ ଅସ୍ଥିରେ ଖଡ୍ଗ ପରି ମୋʼ ବିପକ୍ଷଗଣ ମୋତେ ତିରସ୍କାର କରନ୍ତି;

କାରଣ ସେମାନେ ନିତ୍ୟ ମୋତେ କହନ୍ତି, ତୁମ୍ଭର ପରମେଶ୍ୱର କାହାନ୍ତି?

11 ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ?

ପୁଣି, ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ?

ତୁମ୍ଭେ ପରମେଶ୍ୱରଙ୍କଠାରେ ଭରସା ରଖ;

କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି,

ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-15_21-32-39-