Publicidade

Salmos 50

ସତ୍ୟ ଉପାସନା
ଆସଫର ଗୀତ।

1 ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର କଥା କହିଅଛନ୍ତି

ଓ ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସେ ପୃଥିବୀକୁ ଆହ୍ୱାନ କରିଅଛନ୍ତି।

2 ସୌନ୍ଦର୍ଯ୍ୟର ସିଦ୍ଧି ସ୍ୱରୂପ ସିୟୋନଠାରୁ

ପରମେଶ୍ୱର ପ୍ରକାଶିତ ହୋଇଅଛନ୍ତି।

3 ଆମ୍ଭମାନଙ୍କର ପରମେଶ୍ୱର ଆସିବେ ଓ ନୀରବ ରହିବେ ନାହିଁ;

ତାହାଙ୍କ ସମ୍ମୁଖରେ ଅଗ୍ନି ଗ୍ରାସ କରିବ

ଓ ତାହାଙ୍କ ଚତୁର୍ଦ୍ଦିଗ ଅତ୍ୟନ୍ତ ଝଡ଼ମୟ ହେବ।

4 ସେ ଆପଣା ଲୋକଙ୍କୁ ବିଚାର କରିବା ନିମନ୍ତେ

ଉପରିସ୍ଥ ସ୍ୱର୍ଗକୁ ଓ ପୃଥିବୀକୁ ଡାକିବେ;

5 "ଯେଉଁମାନେ ବଳିଦାନ ଦ୍ୱାରା ଆମ୍ଭ ସଙ୍ଗେ ନିୟମ

କରିଅଛନ୍ତି, ଆମର ସେହି ସଦ୍‍ଭକ୍ତଗଣଙ୍କୁ ଆମ୍ଭ ନିକଟରେ ଏକତ୍ର କର।"

6 ପୁଣି, ସ୍ୱର୍ଗ ତାହାଙ୍କର ଧର୍ମ ପ୍ରକାଶ କରିବ;

କାରଣ ପରମେଶ୍ୱର ସ୍ୱୟଂ ବିଚାରକର୍ତ୍ତା। [ସେଲା]

7 "ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା;

ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା;

ଆମ୍ଭେ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର,

8 ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା କରିବା ନାହିଁ;

ଆଉ, ତୁମ୍ଭର ହୋମବଳିସବୁ ନିତ୍ୟ ଆମ୍ଭ ସମ୍ମୁଖରେ ଅଛି।

9 ଆମ୍ଭେ ତୁମ୍ଭ ଗୃହରୁ କୌଣସି ବୃଷ

କିମ୍ବା ତୁମ୍ଭ ଖୁଆଡ଼ରୁ ଛାଗର ବଳିଦାନ ନେବା ନାହିଁ।

10 କାରଣ ବନସ୍ଥ ପ୍ରତ୍ୟେକ ଜନ୍ତୁ

ଓ ସହସ୍ର ସହସ୍ର ପର୍ବତସ୍ଥ ପଶୁ ଆମ୍ଭର।

11 ଆମ୍ଭେ ପର୍ବତମାନର ସମସ୍ତ ପକ୍ଷୀକୁ ଜାଣୁ

ଓ ବିଲର ପଶୁସବୁ ଆମ୍ଭର।

12 ଆମ୍ଭେ କ୍ଷୁଧିତ ହେଲେ, ତୁମ୍ଭକୁ ଜଣାଇବା ନାହିଁ;

କାରଣ ଜଗତ ଓ ତହିଁର ପୂର୍ଣ୍ଣତା ଆମ୍ଭର।

13 ଆମ୍ଭେ କʼଣ ବୃଷମାଂସ ଭୋଜନ କରିବା,

ଅବା ଛାଗରକ୍ତ ପାନ କରିବା?

14 ତୁମ୍ଭେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ ବଳି ଉତ୍ସର୍ଗ କର

ଓ ସର୍ବୋପରିସ୍ଥଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କର;

15 ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ;

ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ।"

16 ମାତ୍ର ଦୁଷ୍ଟକୁ ପରମେଶ୍ୱର କହନ୍ତି,

"ଆମ୍ଭର ବିଧି ପ୍ରଚାର କରିବାକୁ ଓ ତୁମ୍ଭେ ଯେ ଆମ୍ଭର ନିୟମ ଆପଣା ମୁଖରେ ନେଇଅଛ,

ତୁମ୍ଭର କି ଅଧିକାର?

17 କାରଣ ତୁମ୍ଭେ ଶିକ୍ଷା ଘୃଣା କରୁଅଛ

ଓ ଆମ୍ଭ ବାକ୍ୟ ଆପଣା ପଛେ ପକାଇ ଦେଉଅଛ।

18 ଚୋରକୁ ଦେଖିଲେ, ତୁମ୍ଭେ ତାହା ସଙ୍ଗେ ସମ୍ମତ ହୋଇଅଛ

ଓ ବ୍ୟଭିଚାରୀମାନଙ୍କର ସହଭାଗୀ ହୋଇଅଛ।

19 ତୁମ୍ଭେ ମନ୍ଦ ବିଷୟରେ ଆପଣା ମୁଖ ବଢ଼ାଉଅଛ

ଓ ତୁମ୍ଭର ଜିହ୍ୱା ପ୍ରବଞ୍ଚନା କଳ୍ପନା କରେ।

20 ତୁମ୍ଭେ ଆପଣା ଭାଇ ବିରୁଦ୍ଧରେ ବସି କଥା କହୁଅଛ;

ତୁମ୍ଭେ ଆପଣା ମାତୃପୁତ୍ରର ନିନ୍ଦା କରୁଅଛ।

21 ତୁମ୍ଭେ ଏହିସବୁ କରି ଆସିଅଛ ଓ ଆମ୍ଭେ ନୀରବ ହୋଇ ରହିଅଛୁ;

ତହିଁରେ ଆମ୍ଭେ ସର୍ବତୋଭାବେ ତୁମ୍ଭ ପରି ବୋଲି ତୁମ୍ଭେ ଅନୁମାନ କରିଅଛ;

ମାତ୍ର ଆମ୍ଭେ ତୁମ୍ଭକୁ ଅନୁଯୋଗ କରିବା ଓ ତାହାସବୁ ତୁମ୍ଭ ସାକ୍ଷାତରେ ସଜାଇ ରଖିବା।"

22 "ହେ ପରମେଶ୍ୱରଙ୍କୁ ପାସୋରିବା ଲୋକମାନେ, ତୁମ୍ଭେମାନେ ଏହା ବିବେଚନା କର,

ନୋହିଲେ ଆମ୍ଭେ ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିବା,

ପୁଣି, ଉଦ୍ଧାର କରିବାକୁ କେହି ନ ଥିବ।

23 ଯେଉଁ ଜନ ଧନ୍ୟବାଦରୂପ ବଳି ଉତ୍ସର୍ଗ କରେ, ସେ ଆମ୍ଭକୁ ଗୌରବ ଦିଏ;

ଯେଉଁ ଜନ ଆପଣା ଗତି ସରଳ କରେ,

ତାହାକୁ ଆମ୍ଭେ ପରମେଶ୍ୱରଙ୍କ ପରିତ୍ରାଣ ଦେଖାଇବା।"

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-18_14-04-22-