Publicidade

Salmos 88

ସହାୟତା ପାଇଁ ବିନତି
ଗୀତ; କୋରହ-ସନ୍ତାନଗଣର ଗୀତ। ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍‍ ଲୀୟନ୍ନୋତ୍‍ ସ୍ୱରରେ ଇଷ୍ରାହୀୟ ହେମନର ମସ୍କୀଲ୍‍।

1 ସଦାପ୍ରଭୋ, ମୋʼ ପରିତ୍ରାଣର ପରମେଶ୍ୱର,

ମୁଁ ଦିବାରାତ୍ର ତୁମ୍ଭ ସମ୍ମୁଖରେ କାକୂକ୍ତି କରିଅଛି;

2 ମୋʼ ପ୍ରାର୍ଥନା ତୁମ୍ଭ ଛାମୁରେ ଉପସ୍ଥିତ ହେଉ;

ମୋʼ କାକୂକ୍ତିରେ କର୍ଣ୍ଣପାତ କର;

3 କାରଣ ମୋʼ ପ୍ରାଣ ଦୁଃଖରେ ପରିପୂର୍ଣ୍ଣ

ଓ ମୋʼ ଜୀବନ ପାତାଳର ନିକଟବର୍ତ୍ତୀ ହେଉଅଛି।

4 ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ସଙ୍ଗେ ଗଣିତ;

ମୁଁ ଅସହାୟ ଲୋକର ସମାନ।

5 ଯେଉଁ କବରଶାୟୀ ହତ ଲୋକମାନଙ୍କୁ

ତୁମ୍ଭେ ଆଉ ସ୍ମରଣ କରୁ ନାହଁ

ଓ ଯେଉଁମାନେ ତୁମ୍ଭ ହସ୍ତରୁ ବିଚ୍ଛିନ୍ନ ହୋଇଅଛନ୍ତି,

ସେହି ମୃତ ଲୋକମାନଙ୍କ ମଧ୍ୟରେ ମୁଁ ତ୍ୟକ୍ତ ହୋଇଅଛି।

6 ତୁମ୍ଭେ ମୋତେ ନୀଚତମ ଗତ୍ତର୍ରେ,

ଅନ୍ଧକାରରେ, ଗଭୀର ସ୍ଥାନରେ ରଖିଅଛ।

7 ତୁମ୍ଭର କୋପ ମୋʼ ଉପରେ ପ୍ରବଳ ହୋଇ ରହୁଅଛି

ଓ ତୁମ୍ଭେ ଆପଣାର ସମସ୍ତ ତରଙ୍ଗରେ ମୋତେ କ୍ଳେଶ ଦେଇଅଛ। [ସେଲା]

8 ତୁମ୍ଭେ ମୋହର ପରିଚିତ ଲୋକମାନଙ୍କୁ ମୋʼ ଠାରୁ ଦୂରରେ ରଖିଅଛ;

ତୁମ୍ଭେ ସେମାନଙ୍କ ନିକଟରେ ମୋତେ ଘୃଣାର ବିଷୟ କରିଅଛ।

ମୁଁ ଅବରୁଦ୍ଧ ହୋଇଅଛି ଓ ମୁଁ ବାହାରକୁ ଆସି ପାରୁ ନାହିଁ।

9 କ୍ଳେଶ ସକାଶୁ ମୋʼ ଚକ୍ଷୁ କ୍ଷୀଣ ହେଉଅଛି;

ହେ ସଦାପ୍ରଭୋ, ମୁଁ ପ୍ରତିଦିନ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି,

ମୁଁ ତୁମ୍ଭଆଡ଼େ ଆପଣା ହସ୍ତ ପ୍ରସାରିଅଛି।

10 ତୁମ୍ଭେ କି ମୃତ ଲୋକମାନଙ୍କୁ ଆଶ୍ଚର୍ଯ୍ୟକ୍ରିୟା ଦେଖାଇବ?

ଯେଉଁମାନେ ମରିଯାଇଅଛନ୍ତି, ସେମାନେ ଉଠି କି ତୁମ୍ଭର ପ୍ରଶଂସା କରିବେ? [ସେଲା]

11 କବରରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିଅବା ବିନାଶ

ସ୍ଥାନରେ ତୁମ୍ଭର ବିଶ୍ୱସ୍ତତା କି ପ୍ରଚାରିତ ହେବ?

12 ଅନ୍ଧକାରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟା

ଓ ବିସ୍ମୃତି ଦେଶରେ ତୁମ୍ଭର ଧର୍ମ କି ଜଣାଯିବ?

13 ମାତ୍ର ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରିଅଛି

ଓ ପ୍ରଭାତରେ ମୋʼ ପ୍ରାର୍ଥନା ତୁମ୍ଭ ନିକଟରେ ଉପସ୍ଥିତ ହେବ।

14 ହେ ସଦାପ୍ରଭୋ, ତୁମ୍ଭେ କାହିଁକି ମୋʼ ପ୍ରାଣକୁ ପରିତ୍ୟାଗ କରୁଅଛ?

ତୁମ୍ଭେ କାହିଁକି ମୋʼ ଠାରୁ ଆପଣା ମୁଖ ଲୁଚାଉଅଛ?

15 ମୁଁ ବାଲ୍ୟକାଳଠାରୁ ଦୁଃଖଗ୍ରସ୍ତ ଓ ମୃତକଳ୍ପ;

ମୁଁ ତୁମ୍ଭ ତ୍ରାସ ଭୋଗ କରି କରି ଉନ୍ମନା ହୋଇଅଛି।

16 ତୁମ୍ଭ ପ୍ରଚଣ୍ଡ କୋପ ମୋʼ ଉପର ଦେଇ ଯାଇଅଛି;

ତୁମ୍ଭର ତ୍ରାସସବୁ ମୋତେ ଉଚ୍ଛିନ୍ନ କରିଅଛି।

17 ତାହାସବୁ ସାରାଦିନ ଜଳ ପରି ମୋʼ ଚାରିଆଡ଼େ ଉପସ୍ଥିତ;

ତାହାସବୁ ଏକତ୍ର ମୋʼ ଚାରିଆଡ଼େ ବେଷ୍ଟନ କଲେ।

18 ତୁମ୍ଭେ ସ୍ନେହୀକୁ ଓ ମିତ୍ରକୁ ମୋʼ ଠାରୁ ଦୂରରେ

ଓ ମୋʼ ପରିଚିତ ଲୋକଙ୍କୁ ଅନ୍ଧକାରରେ ରଖିଅଛ।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-15_21-32-39-