Publicidade

Salmos 90

ପରମେଶ୍ୱର ଓ ମନୁଷ୍ୟ
ପରମେଶ୍ୱରଙ୍କ ଲୋକ ମୋଶାଙ୍କର ପ୍ରାର୍ଥନା।

1 ହେ ପ୍ରଭୋ, ତୁମ୍ଭେ ପୁରୁଷାନୁକ୍ରମରେ

ଆମ୍ଭମାନଙ୍କର ବାସସ୍ଥାନ ହୋଇ ଆସିଅଛ।

2 ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ୱାରା ପୃଥିବୀ

ଓ ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳ

ପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ୱର ଅଟ।

3 ତୁମ୍ଭେ ମର୍ତ୍ତ୍ୟକୁ ଧୂଳିରେ ଲୀନ କରୁଅଛ।

ପୁଣି, କହୁଅଛ, "ହେ ମନୁଷ୍ୟ-ସନ୍ତାନଗଣ, ଫେର।"

4 କାରଣ ତୁମ୍ଭ ଦୃଷ୍ଟିରେ ସହସ୍ର ବର୍ଷ ଗତ କାଲିର ତୁଲ୍ୟ

ଓ ରାତ୍ରିର ଏକ ପ୍ରହରର ସମାନ।

5 ଯେପରି ପ୍ଲାବନରେ, ସେପରି ତୁମ୍ଭେ ସେମାନଙ୍କୁ ଭସାଇ ନେଉଅଛ; ସେମାନେ ସ୍ୱପ୍ନ ତୁଲ୍ୟ।

ପ୍ରାତଃକାଳରେ ସେମାନେ ବଢ଼ନ୍ତା ତୃଣ ତୁଲ୍ୟ।

6 ପ୍ରାତଃକାଳରେ ତାହା ସତେଜ ହୋଇ ବଢ଼ଇ;

ସନ୍ଧ୍ୟାକାଳରେ ତାହା କଟାଯାଇ ଶୁଖଇ।

7 କାରଣ ତୁମ୍ଭ କ୍ରୋଧରେ ଆମ୍ଭେମାନେ କ୍ଷୟ ପାଉ,

ପୁଣି, ତୁମ୍ଭ କୋପରେ ଆମ୍ଭେମାନେ ବ୍ୟସ୍ତ ହେଉ।

8 ତୁମ୍ଭେ ଆମ୍ଭମାନଙ୍କ ଅପରାଧ ଆପଣା ସମ୍ମୁଖରେ,

ଆମ୍ଭମାନଙ୍କ ଗୁପ୍ତ ପାପ ଆପଣା ମୁଖର ଦୀପ୍ତିରେ ରଖିଅଛ।

9 କାରଣ ଆମ୍ଭମାନଙ୍କର ସକଳ ଦିନ ତୁମ୍ଭ କୋପରେ ବହିଯାଏ;

କଥିତ କାହାଣୀ ପରି ଆମ୍ଭେମାନେ ଆପଣା ଆପଣା ବର୍ଷ ସମାପ୍ତ କରୁଥାଉ।

10 ଆମ୍ଭମାନଙ୍କ ଆୟୁର ପରିମାଣ ସତୁରି ବର୍ଷ,

ଅବା ବଳ ସକାଶୁ ଅଶୀ ବର୍ଷ ହୁଏ;

ତଥାପି ତହିଁର ବଳ ଓ ପରିଶ୍ରମ ଦୁଃଖ ମାତ୍ର;

କାରଣ ତାହା ଶୀଘ୍ର ବହିଯାଏ ଓ ଆମ୍ଭେମାନେ ଉଡ଼ିଯାଉ

11 ତୁମ୍ଭ କ୍ରୋଧର ପ୍ରବଳତା ଓ ତୁମ୍ଭ ପ୍ରତି ଉପଯୁକ୍ତ

ଭୟ ପ୍ରମାଣେ ତୁମ୍ଭର କୋପ କିଏ ବୁଝେ?

12 ଯେପରି ଆମ୍ଭେମାନେ ଜ୍ଞାନବିଶିଷ୍ଟ ଅନ୍ତଃକରଣ ପାଇ ପାରିବୁ,

ଏଥିପାଇଁ ଆମ୍ଭମାନଙ୍କୁ ଆପଣା ଆପଣା ଦିନର ଗଣନା କରିବାକୁ ଶିକ୍ଷା ଦିଅ।

13 ହେ ସଦାପ୍ରଭୋ, ଫେର; କେତେ କାଳ?

ଆପଣା ଦାସମାନଙ୍କ ପ୍ରତି ପ୍ରସନ୍ନ ହୁଅ।

14 ପ୍ରଭାତରେ ଆମ୍ଭମାନଙ୍କୁ ତୁମ୍ଭ ଦୟାରେ ତୃପ୍ତ କର;

ତହିଁରେ ଆମ୍ଭେମାନେ ଯାବଜ୍ଜୀବନ ହୃଷ୍ଟ ଓ ଆନନ୍ଦିତ ହେବା।

15 ଯେତେ ଦିନ ଆମ୍ଭମାନଙ୍କୁ ଦୁଃଖ ଦେଇଅଛ

ଓ ଯେତେ ବର୍ଷ ଆମ୍ଭେମାନେ ଅମଙ୍ଗଳ ଦେଖିଅଛୁ, ତଦନୁସାରେ ଆମ୍ଭମାନଙ୍କୁ ଆନନ୍ଦିତ କର।

16 ତୁମ୍ଭ ଦାସଗଣ ପ୍ରତି ତୁମ୍ଭର କର୍ମ ଓ ସେମାନଙ୍କ

ସନ୍ତାନଗଣ ପ୍ରତି ତୁମ୍ଭର ମହିମା ପ୍ରକାଶିତ ହେଉ।

17 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ସୌନ୍ଦର୍ଯ୍ୟ ଆମ୍ଭମାନଙ୍କ ଉପରେ ଅଧିଷ୍ଠାନ କରୁ;

ଆଉ, ତୁମ୍ଭେ ଆମ୍ଭମାନଙ୍କ ହସ୍ତକୃତ କର୍ମ ଆମ୍ଭମାନଙ୍କ ପକ୍ଷରେ ସ୍ଥାୟୀ କର;

ହଁ, ଆମ୍ଭମାନଙ୍କର ହସ୍ତକୃତ କର୍ମ ତୁମ୍ଭେ ସ୍ଥାୟୀ କର।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-15_21-32-39-